କେନ୍ୟୁଜ୍(ବ୍ୟୁରୋ): ବହୁ ଚର୍ଚ୍ଚିତ ବଲାଙ୍ଗୀର ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କ ଜାମିନ ଆବେଦନର ଜଷ୍ଟିସ ସଙ୍ଗମ କୁମାର ସାହୁଙ୍କୁ ନେଇ ଗଠିତ ଖଣ୍ଡପୀଠ ଶୁଣାଣି କରି ନିୟମିତ ଜାମିନ ଆବେଦନକୁ ଖାରଜ କରି ଦେଇଛନ୍ତି। ସରକାରଙ୍କ ପକ୍ଷରୁ ଏଏସସି ପ୍ରିୟବ୍ରତ ତ୍ରିପାଠୀ ଏହି ମାମଲା ପରିଚାଳନା କରୁଛନ୍ତି। ୨୦୧୮ ଫେବୃଆରି ୨୩ରେ ପାଟଣାଗଡ଼ର ନବ ବିବାହିତ ସୌମ୍ୟଶେଖର ଓ ପତ୍ନୀ ରୀମା ଆସିଥିବା ଏକ ପାର୍ସଲ ଖୋଲୁଥିବା ବେଳେ ବିସ୍ଫୋରଣ ଘଟିଥିଲା।
ଘଟଣାସ୍ଥଳରେ ସୌମ୍ୟଶେଖରଙ୍କ ଜେଜେ ମା’ଙ୍କ ମୃତ୍ୟୁ ହୋଇଥିଲା। ଗୁରୁତର ଅବସ୍ଥାରେ ସୌମ୍ୟଶେଖର ଓ ରୀମାଙ୍କୁ ବଲାଙ୍ଗୀର ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସୌମ୍ୟଶେଖରଙ୍କ ମୃତ୍ୟ ହୋଇଥିବା ବେଳେ ଗୁରୁତର ଅବସ୍ଥାରେ ରୀମାଙ୍କୁ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏହି ଘଟଣାକୁ ନେଇ ପ୍ରଥମେ ପାଟଣାଗଡ଼ ଥାନା ପୋଲିସ ଓ ପରେ କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ କରିଥିଲା। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ୨୦୧୮ ଏପ୍ରିଲ ୨୫ରେ କ୍ରାଇମବ୍ରାଞ୍ଚ ଗିରଫ କରିଥିଲା।