ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା: ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୨୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ଆସୁଛି ବଡ଼ ବର୍ଷା। ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ଭୀଷଣ ବର୍ଷାରେ ଭିଜିବ ଓଡ଼ିଶା। ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ କାଲି ୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ପ୍ରବଳ ବର୍ଷା ପାଇଁ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ୨୨ତାରିଖକୁ କମିବ ବର୍ଷା। ସେପଟେ ଖୁବ ଶୀଘ୍ର ଦେଶରୁ ଅପସରି ଯିବ ମୌସୁମୀ। ଦେଶର ଉତ୍ତର ପଶ୍ଚିମ ଭାଗରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ଅନୁକୂଳ ରହିଛି ପାଗ। ପୂର୍ବକେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ୨୦ ତାରିଖ ବେଳକୁ ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।
ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆଜି ସକାଳୁ ବର୍ଷା ଆରମ୍ଭ ହୋଇଯାଇଛି। କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ କଟକ ଜିଲ୍ଲାର କିଛି ଅଞ୍ଚଳରେ ବର୍ଷା ଚାଲିଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ବର୍ଷା ଓ ଘଡ଼ଘଡ଼ି ନେଇ ଆଜି ସକାଳ ସାଢ଼େ ୮ଟାରୁ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୨୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ମାଲକାନଗିରି, କୋରାପୁଟ, କଳାହାଣ୍ଡି, ରାୟଗଡ଼ା, ଗଜପତି, କନ୍ଧମାଳ, ବୌଦ୍ଧ, ଗଞ୍ଜାମ, ନୟାଗଡ଼, ଅନୁଗୋଳ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ। ଏହି ଜିଲ୍ଲା ଗୁଡ଼ିକ ମଧ୍ୟରୁ କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାର କିଛି ସ୍ଥାନରେ ପ୍ରବଳରୁ ବର୍ଷା (୭ସେଣ୍ଟିମିଟରରୁ ୧୧ ସେଣ୍ଟିମିଟର) ହୋଇପାରେ।
ଲଘୁଚାପ ପ୍ରଭାବରେ ରାଜ୍ୟରେ ୨୦ ଓ ୨୧ ତାରିଖରେ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି। ଲଘୁଚାପ ପ୍ରଭାବରେ ୨୦, ୨୧ ଓ ୨ ତାରିଖରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ୨୦ ତାରିଖରୁ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ କୁହାଯାଇଛି।