ବଡ଼ ଖବର, ଜୁନ ୬ରେ ଲଘୁଚାପ ଆଶଙ୍କା

0

ଓଡ଼ିଆ ନ୍ୟୁଜ (ବ୍ୟୁ୍ରୋ) : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଜୁନ୍‌‌ ୬ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଦକ୍ଷିଣ ଓ ପୂର୍ବ ଭାରତକୁ ପ୍ରବାହିତ ହେବାକୁ ଥିବା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବାହକୁ ପ୍ରଭାବିତ କରିପାରେ। ସିଇସିର ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ କହିଛନ୍ତି ଯେ ଜୁନ୍‌‌ ୨ ତାରିଖରୁ ୯ତାରିଖ ମଧ୍ୟରେ ଦିନର ତାପମାତ୍ରାରେ ବୃଦ୍ଧି ହେବ ଓ ଓଡ଼ିଶାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

ବର୍ତ୍ତମାନ ଅନୁଭୂତ ହେଉଥିବା ପାଗ ଅନୁଯାୟୀ ଜୁନ୍‌‌ ୧ ତାରିଖ ପର୍ୟ୍ୟନ୍ତ ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳରେ ଦିନର ତାପମାତ୍ରା ୪୨ ଡିଗ୍ରୀ ସେଲ୍‌ଫସିୟସ୍‌‌ରୁ କମ୍‌‌ ଏବଂ ଉପକୂଳ ଅଞ୍ଚଳରେ ୪୦ ଡିଗ୍ରୀ ସେଲସିୟସରୁ କମ୍‌‌ ରହିବ। ଉତ୍ତର ଆରବ ସାଗରରେ ଆଣ୍ଟିସାଇକ୍ଲୋନ୍‌‌ ଓ ବଙ୍ଗୋପ ସାଗରରୁ ପ୍ରବାହିତ ପବନ ହେତୁ ଓଡ଼ିଶାରେ କାଳବୈଶାଖୀର ପ୍ରଭାବ ରହିବ ବୋଲି ସେ କହିଛନ୍ତି। ଅନ୍ୟପଟେ ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ଲହରି ଜାରି ରହିଛି।

ବୁଧବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କଟକ, ନୟାଗଡ଼ ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା ରହିଛି। ଏହି ଜିଲ୍ଲାଗୁଡ଼ିକରେ ବର୍ଷା ସାଙ୍ଗକୁ ପବନର ବେଗ ୪୦-୫୦ କିମି ପର୍ୟ୍ୟନ୍ତ ପହଞ୍ଚିବାର ଆଶଙ୍କା ରହିଛି।

ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ ଓ ଖୋର୍ଦ୍ଧାରେ ମଧ୍ୟ ବିଜୁଳି ଘଡ଼ଘଡ଼ି ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।

Leave A Reply

Your email address will not be published.