ଓଡ଼ିଆ ନ୍ୟୁଜ (ବ୍ୟୁରୋ) : ପୁଣି ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏନେଇ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଉତ୍ତର-ପୂର୍ବ, ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ଅଛି। ଏହି ଘୂର୍ଣ୍ଣିବଳୟ ସମୁଦ୍ର ମଧ୍ୟରେ ବାୟୁମଣ୍ଡଳର ୪.୫ ରୁ ୭.୬କିମି ଉଚ୍ଚତା ମଧ୍ୟରେ ସକ୍ରିୟ ରହିଛି।
ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ବଙ୍ଗୋପସାଗରରେ ୧୮ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଅନ୍ୟପକ୍ଷରେ ଆଜିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।୧୭ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, ବଲାଙ୍ଗିର, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ।
ସେହିପରି କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।