ଓଡ଼ିଆ ନ୍ୟୁଜ, (ବ୍ୟୁରୋ): କାର୍ତ୍ତିକ ମାସର ଶେଷ ପାଞ୍ଚଦିନ (କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣିମା ପର୍ୟ୍ୟନ୍ତ)କୁ ପବିତ୍ର ପଞ୍ଚକ ଭାବେ ପାଳନ କରାଯାଏ। ଏହା ମହା ପଞ୍ଚକ, ବକପଞ୍ଚକ ବା ଭୀଷ୍ମପଞ୍ଚକ ବି ବିଷ୍ଣୁ ପଞ୍ଚକ ଭାବେ ମଧ୍ୟ ଜଣାଶୁଣା। ଯେଉଁମାନେ କାର୍ତ୍ତିକ ମାସ ସାରା ହବିଷ୍ୟ କରିପାରନ୍ତି ନାହିଁ, ସେମାନେ ଏହି ପାଞ୍ଚଦିନ ହବିଷ୍ୟ ପାଳନ କରନ୍ତି। ଅନେକ ଅଁଳା ନବମୀ, ରାଧାପାଦ ଦର୍ଶନ ଦିବସ ଠାରୁ ସାତଦିନ ହବିଷ୍ୟ କରନ୍ତି। ଏହି ପାଞ୍ଚଦିନ ହିନ୍ଦୁମାନେ ଆମିଷ ପରିତ୍ୟାଗ କରି ଶୁଦ୍ଧ, ସାତ୍ତ୍ୱିକ ଖାଦ୍ୟ ଭୋଜନ କରନ୍ତି। ଏହିପଞ୍ଚକରେ ବକମାନେ ମଧ୍ୟ ଆମିଷ ଭୋଜନରୁ ନିବୃତ୍ତ ରୁହନ୍ତି ବୋଲି କଥିତ ଅଛି । ତେଣୁ ଏହାକୁ ‘ବକ ପଞ୍ଚକ’ କୁହାଯାଏ।
ଶର ଶଯ୍ୟା ଉପରେ ଶାୟିତ ପିତାମହ ଭୀଷ୍ମ ରାଜଧର୍ମ, ମୋକ୍ଷଧର୍ମ, ଦାନଧର୍ମ ବର୍ଣ୍ଣନା କରିଥିଲେ, ଯାହାକୁ ପାଣ୍ଡବମାନଙ୍କ ସହିତ ଭଗବାନ ଶ୍ରୀକୃଷ୍ଣ ମଧ୍ୟ ଶୁଣିଥିଲେ । ଏଥିରେ ପ୍ରସନ୍ନ ହୋଇ ଶ୍ରୀବାସୁଦେବ କହିଲେ ଆପଣ ଧନ୍ୟ। ଧର୍ମର ଗୂଢ଼ ରହସ୍ୟ ବର୍ଣ୍ଣନା କରିଛନ୍ତି। କାର୍ତ୍ତିକ ଏକାଦଶୀ ଦିନ ତମେ ଜଳର ଇଚ୍ଛା କରିଛ। ଅର୍ଜୁନ ବାଣଦ୍ୱାରା ଗଙ୍ଗାଜଳ ପ୍ରସ୍ତୁତ କଲେ, ଯଦ୍ୱାରା ତମର ତନ, ମନ, ପ୍ରାଣ ସନ୍ତୁଷ୍ଟ ହେଲା। ଏଣୁ ଆଜିଠାରୁ ପୂର୍ଣ୍ଣିମା ପର୍ୟ୍ୟନ୍ତ ପାଞ୍ଚଦିନ ଯେଉଁମାନେ ତୁମକୁ ଜଳ ଅର୍ଘଦାନ କରିବେ- ସେମାନେ ମୋତେ ତୃପ୍ତକରିବେ । ଏହା ହେଉଛି ଭୀଷ୍ମପଞ୍ଚକ- ପ୍ରତିବର୍ଷ ପାଳିତ ହେବ। ସାଧାରଣତଃ ସନ୍ତାନପ୍ରାପ୍ତି ଉଦ୍ଦେଶ୍ୟରେ ଅନେକ ଏହି ଭୀଷ୍ମପଞ୍ଚକ ବ୍ରତ ପାଳନ କରନ୍ତି ।
କାର୍ତ୍ତିକ ମାସର ଶେଷ ପାଞ୍ଚଦିନ ଅର୍ଥାତ୍ କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣମୀ ପର୍ୟ୍ୟନ୍ତ ପରମ ପବିତ୍ର ଦିବସ। ଏହି ପଞ୍ଚକରେ ତେତିଶ କୋଟି ଦେବତା ମନୁଷ୍ୟମାନଙ୍କର ସନ୍ନିକଟ ହୋଇଯାନ୍ତି ଓ ଏହି ସମୟରେ ଏକଲକ୍ଷ ତୁଳସୀପତ୍ର ଚଢାଇ ବିଷ୍ଣୁଙ୍କୁ ପୂଜାକଲେ, ସମସ୍ତ ଦେବତା ପ୍ରସନ୍ନହୋଇ ବର ପ୍ରଦାନକରନ୍ତି।