ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ ହ୍ୱିଲ୍ ଚେୟାର ଦିବସ | ବାଲେଶ୍ୱର ଜିଲ୍ଲା ପ୍ରଶାସନ ଓ ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ମିଳିତ ଆନୁକୂଲ୍ୟରେ ଆଜି ସ୍ଥାନୀୟ ଗାନ୍ଧୀ ସ୍ମୃତି ଭବନଠାରେ ଅନ୍ତର୍ଜାତୀୟ ହ୍ୱିଲ୍ ଚେୟାର ଦିବସ- ୨୦୨୪ ପାଳିତ ହୋଇଯାଇଛି । ଭିନ୍ନକ୍ଷମଙ୍କ ଅନ୍ତର୍ଭୁକ୍ତି, ଅଭିଗମ୍ୟତା ଏବଂ ସଶକ୍ତିକରଣକୁ ପ୍ରୋତ୍ସାହନ ଦେବା ପାଇଁ ଆୟୋଜିତ ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଧାକର ନାୟକ ଯୋଗ ଦେଇଥିବା ବେଳେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ କୃଷ୍ଣ ଚନ୍ଦ୍ର ବେହେରା ଓ ଭାରପ୍ରାପ୍ତ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରିଣୀ ସୁଶ୍ରୀ ଐଶ୍ଵର୍ଯ୍ୟା ସାମନ୍ତ ପ୍ରମୁଖ ମଞ୍ଚାସୀନ ଥିଲେ |
ଭିନ୍ନକ୍ଷମଙ୍କ ଅଧିକାର ତଥା କଲ୍ୟାଣକୁ ଆଗକୁ ବଢ଼ାଇବା ପାଇଁ ଜିଲ୍ଲା ପ୍ରଶାସନ ପ୍ରତିଶୃତିବଦ୍ଧ | ଭିନ୍ନକ୍ଷମ ବ୍ୟକ୍ତିଙ୍କ ସାମାଜିକ ସୁରକ୍ଷା ଏବଂ ସଶକ୍ତିକରଣ ନିମନ୍ତେ ସମସ୍ତ ଅଂଶଗ୍ରହଣକାରୀ ଏବଂ ସମର୍ଥକମାନଙ୍କୁ ଅଧିକ ଅନ୍ତର୍ଭୁକ୍ତି କରିବା ତଥା ସୁବିଧାଜନକ ପରିବେଶ ସୃଷ୍ଟି ପାଇଁ ଅନେକ ଯୁଗାନ୍ତକାରୀ ପଦକ୍ଷେପ ନିଆଯାଇଛି | ଭିନ୍ନକ୍ଷମଙ୍କୁ ସଶକ୍ତ କରିବାରେ ସଭିଙ୍କର ମିଳିତ ଯୋଗଦାନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ | ଭିନ୍ନକ୍ଷମଙ୍କୁ ସମାଜର ସବୁ ସ୍ତରରେ ସାମାଜିକ ସୁରକ୍ଷା ଯୋଗାଇ ଦେଇ ସେମାନଙ୍କୁ ସ୍ୱାବଲମ୍ବୀ କରାଇବା ବର୍ତ୍ତମାନର ସବୁଠାରୁ ବଡ ଆବଶ୍ୟକତା ବୋଲି ମୁଖ୍ୟ ଅତିଥି ଶ୍ରୀ ନାୟକ ନିଜର ବାର୍ତ୍ତା ରଖିଥିଲେ |
କାର୍ଯ୍ୟକ୍ରମର ଅଧ୍ୟକ୍ଷତା କରି ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ କୃଷ୍ଣ ଚନ୍ଦ୍ର ବେହେରା ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ | ଏହି ଅବସରରେ ୫ ଜଣ ହିତାଧିକାରୀଙ୍କୁ ଆଧୁନିକ ସହାୟତା ଉପକରଣ ବଣ୍ଟନ କରାଯାଇଥିଲା | ପରିଶେଷରେ ବିଭିନ୍ନ କୃତି ପ୍ରତିଯୋଗୀଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା | ସୂଚନା ଥାଉ କି, ଅନ୍ତର୍ଜାତୀୟ ହ୍ୱିଲ୍ ଚେୟାର ଦିବସ- ୨୦୨୪ ପାଳନ ଅବସରରେ ସକାଳ ଘ. ୮.୩୦ ସମୟରେ ଏକ ସଚେତନତା ରାଲିର ଆୟୋଜନ କରାଯାଇଥିଲା |