ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଗୁରୁବାରଠାରୁ ରାଜ୍ୟରେ ବର୍ଷା ବଢ଼ିବ।ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ ପ୍ରକାଶ ପାଇଛି । ଏହା ସହିତ ୨୨ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ପ୍ରବଳ ବର୍ଷା ନେଇ ଆଜି ପାଇଁ ୨୨ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ତେବେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।
ସୁବର୍ଣ୍ଣପୁର, ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ଢେଙ୍କାନାଳ ଏବଂ କଟକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ତେବେ ଆସନ୍ତାକାଲି ଆଡକୁ ବର୍ଷାର ପରିମାଣ ସାମାନ୍ୟ କମିବ। ଆସନ୍ତାକାଲି ପାଇଁ ୬ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ଅନୁଗୁଳ, ଢେଙ୍କାନାଳ, କଟକ, ବୌଦ୍ଧ, ସୋନପୁର ଓ ସମ୍ବଲପୁରରେ ପ୍ରବଳରୁ ଅତିପ୍ରତିବଳ ବର୍ଷା ହୋଇପାରେ । ଏ ସବୁ ସ୍ଥାନରେ ୭୦ରୁ ୨୦୦ ମିମିବର୍ଷା ହେବାର ସମ୍ଭାବନା ଅଛି ।
ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ନୂଆପଡ଼ା , ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ କଳାହାଣ୍ଡିରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୨ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, କେନ୍ଦୁଝର, ସମ୍ବଲପୁର ଓ ଦେବଗଡ଼ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏ ସବୁ ଅଞ୍ଚଳ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଗକୁ ବର୍ଷା ସମ୍ଭାବନା ଥିବା ଜିଲ୍ଲା ପାଇଁ ପ୍ରସ୍ତୁତ ରହିବାକୁ ସ୍ୱତନ୍ତ୍ର ରିଲିଫ କମିଶନର(ଏସ୍ଆରସି) ନିର୍ଦ୍ଦେଶ ଦେଇଛନ୍ତି।