ଓଡ଼ିଆ ନ୍ୟୁଜ୍: ଶରଧାବାଲିରେ ଅଘଟଣ, ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା। ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଦେଖିବାକୁ ଶରଧାବାଲିରେ ମହାପ୍ରଭୁଙ୍କ ଦିବ୍ୟଦର୍ଶନ ପାଇଁ ଲକ୍ଷ ଲକ୍ଷ ଭକ୍ତ ଅତ୍ୟନ୍ତ ଆଗ୍ରହ ଓ ଉତ୍କଣ୍ଠାର ସହ ଆସିଥାନ୍ତି। ସେହି ଉତ୍କଣ୍ଠା ଜନିତ ବ୍ୟଗ୍ରତା ଓ ଭିଡ଼ କାରଣରୁ ୩ ଭକ୍ତଙ୍କ ମୃତ୍ୟୁ ଘଟିଛି। ଏ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅତ୍ୟନ୍ତ ଦୁଃଖ ପ୍ରକାଶ କରିଛନ୍ତି।
ମୁଖ୍ୟମନ୍ତ୍ରୀ ଏ ଘଟଣାରେ ବ୍ୟକ୍ତିଗତ ଭାବେ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି। ମୃତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହିତ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୨୫ ଲକ୍ଷ ଟଙ୍କା ଲେଖାଏ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି।ଏହି ଘଟଣାର ସମ୍ପୂର୍ଣ୍ଣ ପ୍ରଶାସନିକ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏହି ତଦନ୍ତ କରାଯିବ।