ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଜି ଶ୍ରୀଜିଉଙ୍କ ବନଭୋଜି ବେଶ ଅନୁଷ୍ଠିତ ହେବ। ଭାଦ୍ରକୃଷ୍ଣ ଦଶମୀ ତିଥିରେ ଶ୍ରୀଜିଉଙ୍କ ବନଭୋଜି ବେଶ ସହ କୋଳିବିକା ନୀତି, ବକାସୁର ଓ ଅର୍ଘାସୁର ବଧ ବିଶେଷ ନୀତି ମଧ୍ୟ ହେବ। ଗତ ମଙ୍ଗଳବାର ଦିନ ଯେଉଡ଼ ଭୋଗ ପରେ ବୁଧବାର ଶ୍ରୀକୃଷ୍ଣ ଜନ୍ମନୀତି ଓ ଗୁରୁବାର ନନ୍ଦ ଉତ୍ସବ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବା ପରେ ଆଜି ଠାରୁ ମହାପ୍ରଭୁଙ୍କୁ ବିଭିନ୍ନ ବେଶରେ ସଜ୍ଜିତ କରାଯିବ ।
ମଧ୍ୟାହ୍ନଧୂପ ପରେ ରାମକୃଷ୍ଣ ଦୁଇଚଳନ୍ତି ପ୍ରତିମାଙ୍କୁ ପୂଜାପଣ୍ଡା ସେବକମାନେ ଆଜ୍ଞାମାଳ ପ୍ରଦାନ କରିବା ପରେ ଦୁଇ ପ୍ରତିମାଙ୍କୁ ବିମାନରେ ବସାଇ ସିଂହ ଦ୍ୱାର ନିକଟସ୍ଥ ବଡଛତା ମଠ ପାର୍ଶ୍ୱରେ ଥିବା ଏକ କାଠ ସିଂହାସନରେ ବିଜେ କରାଯିବ। ଲେଙ୍କା ସେବକ ଶବରୁଣୀ ବେଶ ହୋଇ ଗୁଆକୋଳି ଓ ନଡ଼ିଆପାତି ମିଶାଇ ଏକ ବାଉଁଶିଆରେ ଧରି ଆସି ସେଠାରେ ନୀତି ସମ୍ପାଦନ କରିବେ। ଆଜି ମଧ୍ୟାହ୍ନ ଧୂପ ପରେ ପ୍ରଭୁ ଶ୍ରୀଜଗନ୍ନାଥ ଓ ବଳଭଦ୍ରଙ୍କଠାରୁ ଆଜ୍ଞାମାଳ ଅଣାଯାଇ ଦକ୍ଷିଣ ଦ୍ୱାରରେ ଥିବା ରାମକୃଷ୍ଣଙ୍କୁ ପ୍ରଦାନ କରାଯାଇଥିଲା । ଏହା ପରେ ରାମକୃଷ୍ଣ ପାଲିଙ୍କିରେ ବିଜେ କରି ବଡ଼ଛତା ମଠ ନିକଟରେ କୋଳି ବିକା ନୀତି ସମ୍ପନ୍ନ କରିବା ପରେ ସନ୍ଧ୍ୟାଧୂପରେ ବନଭୋଜି ବେଶ ଅନୁଷ୍ଠିତ ହେବା ସହ ଅର୍ଘାସୁର ଓ ବକାସୁର ବଦ୍ଧ ନୀତି କରାଯିବ ।
ବନଭୋଜି ବେଶରେ ମହାପ୍ରଭୁଙ୍କୁ ବିଭିନ୍ନ ପ୍ରକାରର ସ୍ୱର୍ଣ୍ଣ ଅଳଙ୍କାର ଲାଗି କରାଯିବ ସହ ମସ୍ତକରେ ସୋଲ,ବେତରେ ତିଆରି ସ୍ୱର୍ଣ୍ଣ କିଆ ଖୋସାଯାଇଥାଏ । ଏହାଛଡ଼ା ରତ୍ନ ସିଂହାସନ ଉପରେ ଦୁଇଟି ଲେଖାଏଁ କାଠ ନିର୍ମିତ ଗାଇ ବାଛୁରୀ ଦଣ୍ତାୟମାନ ଅବସ୍ଥାରେ ରଖାଯାଇଥାଏ । ତେବେ ଶ୍ରୀମନ୍ଦିରରେ ମଧ୍ୟାହ୍ନଧୂପ ପରେ ରାମକୃଷ୍ଣ ଦୁଇ ଚଳନ୍ତି ପ୍ରତିମାଙ୍କୁ ପୂଜାପଣ୍ଡା ସେବକମାନେ ଆଜ୍ଞାମାଳ ପ୍ରଦାନ କରିବା ପରେ ଦୁଇ ପ୍ରତିମାଙ୍କୁ ବିମାନରେ ବସାଇ ସିଂହଦ୍ଵାର ନିକଟସ୍ଥ ବଡଛତା ମଠ ପାର୍ଶ୍ବରେ ଥିବା ଏକ କାଠ ସିଂହାସନରେ ବିଜେ କରାଇଥିଲେ ।
Comments are closed.