ଓଡ଼ିଆ ନ୍ୟୁଜ, (ବ୍ୟୁରୋ): ଆଜି ପୁରୀ ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସନ୍ଧ୍ୟା ୫ଟାରୁ ରାତି ୯ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା 5ଟାରୁ ରାତି 9ଟା ଯାଏ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଭକ୍ତଙ୍କ ପାଇଁ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୁଚନା ଦିଆଯାଇଛି ।
ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହଙ୍କୁ ଲଗାଇବା ଏମାନଙ୍କ କାମ । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହୋଇଥାଏ। । ବଜାରରେ ମିଳୁଥିବା ରଙ୍ଗ ବନକଲାଗିରେ ବ୍ୟବହାର ହୁଏ ନାହିଁ । ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ । ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ ।
ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ । ରତ୍ନସିଂହାସନ ଆଗରେ ଯେଉଁ ଭୋଗ ବଢାହୁଏ ତା’ର ଗରମବାଷ୍ପ ଯୋଗୁଁ ମୁଖମଣ୍ଡଳର ଉଜ୍ଜଳତା କମିଯାଏ । କସ୍ତୁରୀ ବ୍ୟବହାର ଯୋଗୁଁ ରଙ୍ଗ ଦୀର୍ଘସ୍ଥାୟୀ ହୁଏ ।