ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗରେ ଯୋଗଦେଲେ ୬୮୯୧ ହାଇସ୍କୁଲ ଶିକ୍ଷକ, ସଂକଳ୍ପ ନେଇ କାମ କରିବାକୁ ମୁଖ୍ୟମନ୍ତ୍ରୀ ଦେଲେ ପରାମର୍ଶ

0

ଓଡିଆ ନ୍ୟୁଜ୍(ବ୍ୟୁରୋ):  ଆପଣମାନେ ସମସ୍ତେ ଯୁବକ ଓ ବହୁତ ଉତ୍ସାହୀ । ତେଣୁ ଶିକ୍ଷକତାକୁ ଏକ ଚାକିରୀ ଭାବରେ ଗ୍ରହଣ ନ କରି ଏହାକୁ ଏକ ସଂକଳ୍ପ ଭାବେ ନେଇ କାମ କରନ୍ତୁ । ମୋର ବିଶ୍ବାସ, ମୋ ଓଡିଶାର ପିଲାମାନଙ୍କ ଭବିଷ୍ୟତକୁ ଉଜ୍ଜଳ କରିବାରେ ଆପଣମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିବ। ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସ୍ଥାନୀୟ କଳିଙ୍ଗ ହକି ଷ୍ଟାଡିଅମ ଠାରେ ନବନିଯୁକ୍ତ ଶିକ୍ଷକ ମାନଙ୍କୁ ଉଦ୍ବୋଧନ ଦେଇ ଏହି ପରାମର୍ଶ ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ ଆଜି ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗରେ ୬୮୯୧ ଜଣ ଶିକ୍ଷକ-ଶିକ୍ଷୟତ୍ରୀ ଯୋଗ ଦେଇଛନ୍ତି । ଏହି ନବନିଯୁକ୍ତ ଶିକ୍ଷକ ମାନଙ୍କ ପାଇଁ ସ୍ଥାନୀୟ କଳିଙ୍ଗ ହକି ଷ୍ଟାଡିଅମ ଠାରେ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟରେ ଶିକ୍ଷକ ନିଯୁକ୍ତି କାର୍ଯ୍ୟକ୍ରମ ଜୋରଦାର ରେ ଜାରି ରହିଛି । ଗତ ୩ ବର୍ଷ ମଧ୍ୟରେ ୧୪ ହଜାରରୁ ଅଧିକ ଶିକ୍ଷକ ନିଯୁକ୍ତି ପାଇଛନ୍ତି ବୋଲି ସେ କହିଥିଲେ । ଶିକ୍ଷକତା ପରି ଏକ ମହାନ ବୃତ୍ତିରେ ଯୋଗ ଦେଇଥିବାରୁ ସେମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଶିକ୍ଷକମାନେ ହେଉଛନ୍ତି ରାଷ୍ଟ୍ରନିର୍ମାତା । ଜାତିର ଗୌରବ। ଦେଶର ଭବିଷ୍ୟତ ପୀଢିକୁ ଗଢିବାର ପବିତ୍ର ଦାୟିତ୍ବ ଆପଣମାନେ ନେଉଛନ୍ତି । ଶିକ୍ଷା ହିଁ କେବଳ ଗୋଟିଏ ବ୍ୟକ୍ତି ବା ପରିବାର ବା ସମାଜ ନୁହେଁ, ଶିକ୍ଷା ଗୋଟିଏ ଜାତିର ଭାଗ୍ୟ ପରିବର୍ତ୍ତନ କରିଦିଏ ବୋଲି ସେ ମତବ୍ୟକ୍ତ କରିଥିଲେ।

teacher4

ସରକାରଙ୍କ ୫-ଟି ରୂପାନ୍ତର କାର୍ଯ୍ୟକ୍ରମ ଉପରେ ଆଲୋକପାତ କରି ସେ କହିଲେ ଯେ ଶିକ୍ଷା ହେଉଛି ରୂପାନ୍ତରର ଶକ୍ତିଶାଳୀ ମାର୍ଗ । ସ୍ବଚ୍ଛତା, ପ୍ରଯୁକ୍ତିବିଦ୍ୟା, ଟିମ୍‌ ୱାର୍କ, ସମୟ ଓ ରୂପାନ୍ତର ହେଉଛି ଆମ ପ୍ରଶାସନିକ ବ୍ୟବସ୍ଥାର ମନ୍ତ୍ର ବୋଲି ସେ କହିଥିଲେ । ସ୍କୁଲ ରୂପାନ୍ତର ବିଷୟରେ ସୂଚନା ଦେଇ ସେ କହିଲେ ଯେ ଏ ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ୪୦୦୦ ସ୍କୁଲର ରୂପାନ୍ତର କାମ ସରିଲାଣି। ଡିସେମ୍ବର ୨୦୨୩ ସୁଦ୍ଧା ଆଉ ଚାରି ହଜାର ଆଠ ଶହ ସ୍କୁଲ ରୂପାନ୍ତର କରାଯିବ । ମୁଖ୍ୟମନ୍ତ୍ରୀ କହିଲେ, ‘ଆପଣଙ୍କ ଗାଁ, ଆପଣଙ୍କ ବ୍ଲକ୍‌ରେ ମଧ୍ୟ ଆପଣମାନେ ସ୍କୁଲର ନୂଆ ରୂପ ନିଶ୍ଚୟ ଦେଖିଥିବେ। ସ୍କୁଲ ରୂପାନ୍ତର ପିଲାଙ୍କ ଭିତରେ ନୂଆ ଉତ୍ସାହ ଆଣିଛି। ସେ ଉତ୍ସାହକୁ ଜୀବନର ସଫଳତାରେ ରୂପାନ୍ତର କରିବା ଦାୟିତ୍ବ ଆପଣମାନଙ୍କର।’ ଆମ ଶିକ୍ଷକମାନଙ୍କର ଜ୍ଞାନ, ତ୍ୟାଗ ଓ ନିଷ୍ଠା ହିଁ ଶିକ୍ଷା କ୍ଷେତ୍ରରେ ପ୍ରକୃତ ରୂପାନ୍ତର ଆଣିପାରିବ ବୋଲି ସେ କହିଥିଲେ।’

କାର୍ଯ୍ୟକ୍ରମରେ ଯୋଗଦେଇ ଶିଳ୍ପ ଓ ଶକ୍ତି ମନ୍ତ୍ରୀ ଶ୍ରୀ ପ୍ରତାପ ଦେବ ଏବଂ ଜଳସଂପଦ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ପ୍ରମୁଖ ଶିକ୍ଷା କ୍ଷେତ୍ରରେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ପିଲାମାନଙ୍କ ପାଇଁ ନୂଆ ସୁଯୋଗ ସୃଷ୍ଟି କରିଛି ଏବଂ ଶିକ୍ଷା କ୍ଷେତ୍ରରେ ଏକ ନୂତନ ପରିଚୟ ସୃଷ୍ଟି କରିଛି ବୋଲି ମତବ୍ୟକ୍ତ କରିଥିଲେ। ଛାତ୍ରଛାତ୍ରୀ ମାନଙ୍କ ଭବିଷ୍ୟତର ରୂପାନ୍ତର ପାଇଁ ଶିକ୍ଷକ ମାନଙ୍କ ଭୂମିକା ଗୁରୁତ୍ବପୂର୍ଣ୍ଣ ବୋଲି ମତ ଦେଇ ଏ ଗୁରୁଦାୟିତ୍ବକୁ ନୂତନ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ତୁଲାଇବେ ବୋଲି ସେମାନେ ଆଶାପ୍ରକାଶ କରିଥିଲେ ।

କାର୍ଯ୍ୟକ୍ରମରେ ୩ ଜଣ ଶିକ୍ଷକ –ପବିତ୍ର କର, ପ୍ରମିତା ପଟ୍ଟନାୟକ ଓ ଜୟଶ୍ରୀ ପାଢୀ ପ୍ରମୁଖ ସେମାନଙ୍କ ଅଭିଜ୍ଞତା ସଂପର୍କରେ ବର୍ଣ୍ଣନା କରି କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଅନୁଷ୍ଠିତ ହେଉଥିବା ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ସାରା ଦୁନିଆକୁ ଏହି ବାର୍ତ୍ତା ଦେଉଛି ଯେ ଓଡିଶାରେ ଶିକ୍ଷକ ମାନଙ୍କୁ କିଭଳି ଭାବରେ ସ୍ବାଗତ କରାଯାଏ ଓ ସମ୍ମାନ ଦିଆଯାଏ। ନିଯୁକ୍ତି ପ୍ରକ୍ରିୟା ଉପରେ ଆଲୋକପାତ କରି ସେମାନେ କହିଲେ ଯେ ଆମେ ସମସ୍ତେ ଖୁବ କମ୍‌ ସମୟରେ ଏକ ସ୍ବଚ୍ଛ ପ୍ରକ୍ରିୟା ମଧ୍ୟରେ ନିଯୁକ୍ତି ପାଇଛୁ ଏବଂ ଆମେ ସଂପୂର୍ଣ୍ଣ ପ୍ରତିବଦ୍ଧତାର ସହିତ ଛାତ୍ରଛାତ୍ରୀ ମାନଙ୍କ ଜ୍ଞାନ ଓ ସାମଗ୍ରୀକ ବିକାଶ ପାଇଁ କାମ କରିବୁ ବୋଲି ସେମାନେ ମତବ୍ୟକ୍ତ କରିଥିଲେ।

ଏହି ଅବସରରେ ସ୍ବାଗତ ଭାଷଣ ଦେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ଦାଶ ରାଜ୍ୟରେ ଶିକ୍ଷକ ନିଯୁକ୍ତି କାର୍ଯ୍ୟକ୍ରମକୁ ସୁବ୍ୟବସ୍ଥିତ କରାଯାଇଛି ବୋଲି କହିଥିଲେ । ପିଲାମାନଙ୍କ ସୃଜନଶୀଳ ପ୍ରତିଭାର ବିକାଶ ଉପରେ ଗୁରୁତ୍ବ ଦେବାକୁ ସେ ପରାମର୍ଶ ଦେଇଥିଲେ । ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ରୋହିତ ପୂଜାରୀ ଧନ୍ୟବାଦ ଅର୍ପଣ କରି କହିଥିଲେ ଯେ ସ୍କୁଲ ରୂପାନ୍ତର ଯୋଗୁ ରାଜ୍ୟର ଶିକ୍ଷା ବ୍ୟବସ୍ଥା ବିଶ୍ବସ୍ତରୀୟ ହୋଇପାରିଛି ।

Leave A Reply

Your email address will not be published.