ଓଡ଼ିଆ ନ୍ୟୁଜ (ବ୍ୟୁରୋ) : ଆଜି ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ସମୁଦ୍ର ପତ୍ତନଠାରୁ ୫.୮ ରୁ ୭.୬ କିମି ମଧ୍ୟରେ ସକ୍ରିୟ ରହିଛି। ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଛି। ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ ସୂଚନା ଅନୁସାରେ, ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ୨୫ ତାରିଖ ବେଳକୁ ବିସ୍ତୃତ ବର୍ଷା ହେବାର ସମ୍ଭାବନା ରହିଛି।
ଆଜି ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିପାରେ। ୨୭ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ ମୌସୁମୀ ସ୍ୱାଭାବିକ ସହ ଗତ ୨୪ ଘଣ୍ଟାରେ ରାଜ୍ୟରେ ହାରାହାରି ୬.୪ ମିମି ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ୭.୯ ମିମି ତୁଳନାରେ ୧୯ ପ୍ରତିଶତ କମ ରହିଛି । ଗଞ୍ଜାମ ଜିଲ୍ଲାରେ ସର୍ବନିମ୍ନ ୨୨୭.୫ ମିମି ସହ ୩୫% ନିଅଣ୍ଟିଆ ରେକର୍ଡ ହୋଇଛି ।
ଚଳିତ ମୌସୁମୀ ଋତୁରେ, ୧ ଜୁନ ରୁ ଆଜି ୨୪ ଜୁଲାଇ ସୁଦ୍ଧା ରାଜ୍ୟରେ ୪୦୭.୯ ମିମି ବର୍ଷା ରେକର୍ଡ କରାଯାଇଛି । ଯାହା ସ୍ଵାଭାଵିକ ବର୍ଷା ୪୬୬.୭ ମିମି ତୁଳନାରେ ୧୩ ପ୍ରତିଶତ କମ ରହିଛି । ଏହି ଅବଧି ମଧ୍ୟରେ ମାଲକାନଗିରି ଜିଲ୍ଲାରେ ସର୍ବାଧିକ ୬୯୬.୮ ମିମି ସହ ୪୨ ପ୍ରତିଶତ ଅଧିକ ବର୍ଷା ରେକର୍ଡ ହୋଇଛି । ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଆସନ୍ତା ୨୫ ତାରିଖ ଦିନ କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, ରାୟଗଡ଼ା ଓ ବଲାଙ୍ଗୀର ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିସହ ସୁବର୍ଣ୍ଣପୁର, ବୌଦ୍ଧ, କଟକ, ଖୋର୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର ଓ ନୟାଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲା ପାଇଁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି। ୨୬ ଓ ୨୭ରେ ମଧ୍ୟ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।