ସୁଆଣ୍ଡୋରୁ ଆରମ୍ଭ ହେଲା ମହାପୁରୁଷଙ୍କ ଜନ୍ମପୀଠର ବିକାଶ କାର୍ଯ୍ୟକ୍ରମ, ୫-ଟି ଉପକ୍ରମରେ ରାଜ୍ୟର ସବୁ ବରପୁତ୍ରଙ୍କ ଜନ୍ମପୀଠର ରୂପାନ୍ତର କରାଯିବ

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ):  ଉତ୍କଳମଣିଙ୍କ ଜନ୍ମପୀଠ ସୁଆଣ୍ଡୋର ହୋଇଛି କାୟାକଳ୍ପ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସୁଆଣ୍ଡୋରେ ପଣ୍ଡିତ ଗୋପବନ୍ଧୁଙ୍କ ରୂପାନ୍ତରିତ ଜନ୍ମପୀଠକୁ ଲୋକାର୍ପିତ କରିଛନ୍ତି । ଗୋପବନ୍ଧୁଙ୍କ ଏକ ୧୫ ଫୁଟ ଉଚ୍ଚ ପୂର୍ଣ୍ଣ ଅବୟେବ ପ୍ରତିମୂର୍ତ୍ତୀ ଉନ୍ମୋଚନ କରିବା ସହିତ ବିକଶିତ ଶିବ ମନ୍ଦିର, ପୋଖରୀ, ମ୍ୟୁଜିୟମ ଓ ପୈତୃକ ବାସଗୃହର ଉଦ୍‌ଘାଟନ କରିଛନ୍ତି । ଏହାସହିତ ଜନ୍ମପୀଠକୁ ରାସ୍ତା, ପରିକ୍ରମା ରାସ୍ତା ଓ ଏକ ସୂଚନାକେନ୍ଦ୍ର ମଧ୍ୟ କରାଯାଇଛି।

ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗୋପବନ୍ଧୁ ଥିଲେ ଜଣେ ଯୁଗପୁରୁଷ । ଓଡିଆ ଜାତି ତାଙ୍କ ନିକଟରେ ସବୁବେଳେ ଋଣୀ । ତାଙ୍କ ସ୍ମୃତି ରକ୍ଷା ପାଇଁ ଯେତେ ଯାହା କଲେ ବି, କମ୍‌ ହେବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ୫-ଟି ଉପକ୍ରମରେ ଓଡିଶାର ବରପୁତ୍ର ମାନଙ୍କ ଜନ୍ମପୀଠର ବିକାଶ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଉତ୍କଳ ଗୌରବ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗଙ୍ଗାଧର ମେହେର, ସହିଦ ଲକ୍ଷ୍ମଣ ନାୟକ ଏବଂ ଆହୁରି ଅନେକ ମହାପୁରୁଷଙ୍କ ତ୍ୟାଗ ଓ ସାଧନା ଓଡିଶାର ଗୌରବ ବଢାଇଛି ବୋଲି ସେ କହିଥିଲେ ।

ଗୋପବନ୍ଧୁଙ୍କ ସ୍ମୃତି ଚାରଣ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଉତ୍କଳମଣି ଥିଲେ ମାନବ ସମାଜର ମଣି । ତାଙ୍କ ତ୍ୟାଗ, ଦେଶଭକ୍ତି, ସେବା ଓ ଜାତିପ୍ରୀତିର ତୁଳନା ନାହିଁ । ସ୍ବାଧୀନତା ସଂଗ୍ରାମରୁ ଆରମ୍ଭ କରି ଓଡିଶାର ଶିକ୍ଷା, ସାହିତ୍ୟ ସଂସ୍କୃତି, ରାଜନୀତି, ସେବା ଓ ମାନବିକତାର ନୂଆ କାର୍ତ୍ତୀ ସ୍ଥାପନ କରିଯାଇଛନ୍ତି । ଓଡିଶାରେ ଜାତୀୟବାଦୀ ଚେତନାର ବିକାଶରେ ସେ ଥିଲେ କର୍ଣ୍ଣଧାର । ଭୋଗ ନୂହେଁ, ତ୍ୟାଗ ହିଁ ମହାନ, ସେବା ହିଂ ଶ୍ରେଷ୍ଠ – ଏହା ହିଁ ହେଉଛି ଗୋପବନ୍ଧୁଙ୍କ ଜୀବନର ବର୍ତ୍ତା । ସେ ସବୁବେଳେ ଆମ ପାଇଁ ପ୍ରେରଣା ହୋଇ ରହିଛନ୍ତି ଓ ରହିଥିବେ । ଗୋପବନ୍ଧୁଙ୍କ ‘ଭାର୍ଗବୀ ସଂକଳ୍ପ’କୁ ଜୀବନର ବ୍ରତ କରି ଏକ ନୂଆ ଓ ସଶକ୍ତ ଓଡିଶା ଗଠନ ପାଇଁ କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।

ଗୋପବନ୍ଧୁଙ୍କ ଜନ୍ମ ମାଟିର ବିକାଶ ରେ ମୁଖ୍ୟମନ୍ତ୍ରୀ ଏଥିପାଇଁ ଉତ୍କଳମଣିଙ୍କ ପରିବାର ଓ ସୁଆଣ୍ଡୋଙ୍କ ଜନସାଧାରଣଙ୍କ ସହଯୋଗ ପାଇଁ ଧନ୍ୟବାଦ ଦେଇଥିଲେ । ଏହାସହିତ ରାଜ୍ୟ ସଂସ୍କୃତି ବିଭାଗ ଓ ପୁରୀ ଜିଲ୍ଲା ପ୍ରଶାସନକୁ ମଧ୍ୟ ଧନ୍ୟବାଦ ଦେଇଥିଲେ । କାର୍ଯ୍ୟକ୍ରମରେ ଯୋଗ ଦେଇ ଗୋପବନ୍ଧୁଙ୍କ ନାତି ଶ୍ରୀ ଧିରେନ୍ଦ୍ର କୁମାର ଦାସ, ଉତ୍କଳମଣୀଙ୍କ ଜନ୍ମପୀଠର ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ । ଏହାଦ୍ବାରା ରାଜ୍ୟରେ ମହାପୁରୁଷ ମାନଙ୍କ ମାର୍ଗରେ ଚାଲିବାକୁ ଜନସାଧାରଣ ପ୍ରେରିତ ହେବେ ବୋଲି ସେ କହିଥିଲେ ।

କାର୍ଯ୍ୟକ୍ରମରେ ରାଜ୍ୟ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ଅଶ୍ବିନୀ କୁମାର ପାତ୍ର, କ୍ରୀଡାମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଂଜନ ଦାଶ ପ୍ରମୁଖ ଅଭିଭାଷଣ ରଖି ଗୋପବନ୍ଧୁଙ୍କ ଜନ୍ମପୀଠର ବିକାଶ ସହିତ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ବିଭିନ୍ନ କ୍ଷେତ୍ରରେ ଓଡିଶାର ରୂପାନ୍ତର ଉପରେ ଆଲୋକପାତ କରିଥିଲେ । ଏହାସହିତ ସାଂସଦ ଶ୍ରୀ ପିନାକୀ ମିଶ୍ର, ବିଧାୟକ ଶ୍ରୀ ଉମାକାନ୍ତ ସାମସ୍ତରାୟ ସମାଜ ଖବରକାଗଜ ପକ୍ଷରୁ ଶ୍ରୀ ନିରଞ୍ଜନ ରଥ ମଧ୍ୟ ନିଜ ନିଜର ବକ୍ତବ୍ୟ ରଖିଥିଲେ।

ବୈଠକରେ ଉତ୍କଳମଣିଙ୍କ ସଂପର୍କରେ ଏକ ବୃତଚିତ୍ର ପ୍ରଦାର୍ଶିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ଗୋପବନ୍ଧୁଙ୍କ ୭ ଜଣ ନାତିଙ୍କୁ ସମ୍ବର୍ଦ୍ଧିତ କରିଥିଲେ ।ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । 5T ଉପକ୍ରମରେ ଉତ୍କଳମଣିଙ୍କ ଜନ୍ମସ୍ଥାନର ରୂପାନ୍ତରରେ ପୁରୀର ଜିଲ୍ଲାପାଳ ସମର୍ଥ ବର୍ମା ଏବଂ ପୂର୍ବତନ ଜିଲ୍ଲାପାଳ  ବଲବନ୍ତ ସିଂହଙ୍କ ଉଦ୍ୟମର ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିଥିଲେ। ରାଜ୍ୟ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ସ୍ବାଗତ ଭାଷଣ ଦେଇଥିଲେ ଏବଂ ପୁରୀ ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.