ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): କାଲିଠୁ ପୁଣି ବଢିବ ବର୍ଷା। ବଡ଼ ବର୍ଷା ଆଣିବ ଲଘୁଚାପ। ୧୮ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା। ବର୍ତ୍ତମାନ ଉତ୍ତରପୂର୍ବ ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଉତ୍ତର ବଙ୍ଗୋପସାଗରରେ ୧୮ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। କାଲି କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି।
କାଲି ଠାରୁ ରାଜ୍ୟରେ ବଢିବ ବର୍ଷାର ପରିମାଣ। ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆସନ୍ତା ୧୭ ଓ ୧୮ ତାରିଖରେ ବଢିବ ବର୍ଷାର ବିସ୍ତୃତି। ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। କାଲି ପୁରୀ, ଖୋର୍ଦ୍ଧା, କଟକ, ଅନୁଗୁଳ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ପାଇଁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ । ୧୮ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ୧୮ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲା କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ପ୍ରବଳ ବର୍ଷା ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।