ଓଡିଆ ନ୍ୟୁଜ୍ (ବ୍ୟୁରୋ) : ଆସନ୍ତା୨୩ରେ ଆସୁଛି ବଡ ବର୍ଷା । ପ୍ରବଳ ବର୍ଷାରେ ଭିଜିବ ଓଡିଶା । ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ୭୦ରୁ ୧୧୦ ମିଲିମିଟର ବର୍ଷା ନେଇ ଆକଳନ । ୨୫ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ନେଇ ୧୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କଲା ପାଣିପାଗ କେନ୍ଦ୍ର । ବର୍ଷା ସତ୍ବେ ବି ମୌସୁମୀ ସିଜିନରେ ୮ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ଦକ୍ଷିଣ-ଉପକୂଳରେ ସ୍ଥିତି ଉତ୍କଟ । ଓଡ଼ିଶା ଉପରେ ନାହିଁ କୌଣସି ପାଣିପାଗ ନିୟାମକ ।
ଫଳରେ ସାରା ରାଜ୍ୟରେ କେଉଁଠି ଘଡଘଡି ବିଜୁଳି ସହ ବର୍ଷା ହେଉଛି ତ କେଉଁଠି ରାଜ କରୁଛି ଗରମ ଗୁଳୁଗୁଳି । ଆସନ୍ତା ଦୁଇ ଦିନ ପର୍ୟ୍ୟନ୍ତ ରାଜ୍ୟରେ ଏଭଳି ସ୍ଥିତି ଜାରି ରହିବ । ସାମ୍ଭାବ୍ୟ ଘୂର୍ଣ୍ଣିବଳୟ ପ୍ରଭାବରେ ବଦଳିବ ବାୟୁ ଚଳାଚଳର ପ୍ରକ୍ରିୟା । ପ୍ରଭାବରେ ୨୩ ତାରିଖରେ ପ୍ରବଳ ବର୍ଷା ନେଇ ବାଲେଶ୍ବର, ମୟୁରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବାରମ୍ବାର ଲଘୁଚାପ ସତ୍ତ୍ବେ ବି ରାଜ୍ୟରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ଜୁନ୍ ୧ ତାରିଖରୁ ଆଜି ପର୍ୟ୍ୟନ୍ତ ସ୍ବାଭାବିକ ଠାରୁ ୮ ପ୍ରତିଶତ ନଅଣ୍ଟିଆ ବର୍ଷା ରେକର୍ଡ ହୋଇଥିବା ବେଳେ ୧୧ଟି ଜିଲ୍ଲାରେ ଉତ୍କଟ ସ୍ଥିତି ଦେଖିବାକୁ ମିଳିଛି ।
ଅନ୍ୟପଟେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୨୨ ଅଗଷ୍ଟ, ମଙ୍ଗଳବାର ଅପରାହ୍ନ ସୁଦ୍ଧା ରାଜ୍ୟର ୧୮ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଓ କନ୍ଧମାଳ ପ୍ରଭୃତି ୧୮ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଅନ୍ୟପକ୍ଷରେ ଟୁଇନ୍ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସକାଳୁ ଆକାଶ ଆଂଶିକ ମେଘାଛନ୍ନ ରହିଛି। ତେବେ, ଟୁଇନ୍ ସିଟି ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସୂଚନାରେ କୁହାଯାଇଛି।