ହେବ ନାହିଁ ମେଣ୍ଟ; ମନମୋହନ ସାମଲ

0

ଓଡ଼ିଆ ନ୍ୟୁଜ(ବ୍ୟୁରୋ): ମେଣ୍ଟ ପ୍ରସଙ୍ଗ ଚର୍ଚ୍ଚା ଭିତରେ ରାଜ୍ୟ ବିଜେପି ସଭାପତିଙ୍କ ବଡ଼ ବୟାନ । ଭାରତୀୟ ଜନତା ପାର୍ଟି (ବିଜେପି) ଏଥର ସମସ୍ତ ୨୧ ଲୋକସଭା ଓ ୧୪୭ ବିଧାନସଭା ଆସନରେ ଏକାକୀ ଲଢ଼ିବ ବୋଲି କହିଛନ୍ତି ମନମୋହନ ସାମଲ । ନିଜ ସୋସିଆଲ ମିଡ଼ିଆ ଏକ୍ସରେ ଏହି ସୂଚନା ଦେଇଛନ୍ତି । ଯେଉଁଥିରୁ ରାଜ୍ୟରେ ମେଣ୍ଟ ଚର୍ଚ୍ଚା ଉପରେ ଏକ ପ୍ରକାର ବିରାମ ଲାଗିଛି ।

ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଏକ୍ସରେ ଲେଖିଛନ୍ତି, ଗତ ୧୦ ବର୍ଷ ଧରି ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ଓଡ଼ିଶାର ବିଜୁ ଜନତା ଦଳ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରଙ୍କୁ ରାଷ୍ଟ୍ରୀୟ ମହତ୍ତ୍ବ ଥିବା ଅନେକ ପ୍ରସଙ୍ଗରେ ସମର୍ଥନ କରିଆସୁଛି । ଏଥିପାଇଁ ତାଙ୍କୁ ଧନ୍ୟବାଦ । ସମଗ୍ର ଦେଶରେ ଯେଉଁସବୁ ରାଜ୍ୟରେ ଡବଲ ଇଞ୍ଜିନ ସରକାର ରହିଛି ସେଠାରେ ବିକାଶ ଓ ଗରିବ କଲ୍ୟାଣର କାର୍ଯ୍ୟସବୁ ତ୍ବରାନ୍ବିତ ହୋଇଛି ଓ ସବୁ କ୍ଷେତ୍ରରେ ସଂପୃକ୍ତ ରାଜ୍ୟମାନେ ମଧ୍ୟ ଅଗ୍ରଗତି ହାସଲ କରୁଛନ୍ତି ବୋଲି ଆମେ ଅନୁଭବ କରୁଅଛୁ ।

ସେ ଆହୁରି ମଧ୍ୟ କହିଛନ୍ତି ଯେ, ଆଜି ଓଡ଼ିଶାରେ ମୋଦୀ ସରକାରଙ୍କ ଅନେକ କଲ୍ୟାଣକାରୀ ଯୋଜନା ତୃଣମୂଳ ସ୍ତରକୁ ପହଞ୍ଚି ପାରୁନାହିଁ, ଯେଉଁ କାରଣରୁ ଓଡିଶାର ଗରିବ ଭଉଣୀ ଓ ଭାଇମାନେ ଏସବୁର ସୁଫଳ ପାଇପାରୁନାହାଁନ୍ତି । ଓଡ଼ିଆ-ଅସ୍ମିତା, ଓଡ଼ିଶାର ଗୌରବ ଏବଂ ଓଡ଼ିଶାବାସୀଙ୍କ ସ୍ବାର୍ଥ ସହ ଜଡ଼ିତ ଅନେକ ପ୍ରସଙ୍ଗରେ ଆମେ ରାଜ୍ୟ ସରକାରଙ୍କ ସହ ସହମତ ହୋଇପାରୁନାହୁଁ । ସାଢ଼େ ଚାରି କୋଟି ଓଡ଼ିଆଙ୍କ ଆଶା, ଅଭିଳାଷ ଓ ଆକାଂକ୍ଷାକୁ ପୂରଣ କରିବା ପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦର୍ଶୀ ନେତୃତ୍ବରେ ଏକ ବିକଶିତ ଭାରତ ତଥା ବିକଶିତ ଓଡ଼ିଶା ଗଠନ ନିମନ୍ତେ ଭାରତୀୟ ଜନତା ପାର୍ଟି (ବିଜେପି) ଏଥର ସମସ୍ତ ୨୧ ଲୋକସଭା ଓ ୧୪୭ ବିଧାନସଭା ଆସନରେ ଏକାକୀ ଲଢ଼ିବ ବୋଲି କହିଛନ୍ତି ମନମୋହନ ସାମଲ ।

Leave A Reply

Your email address will not be published.