ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷିବ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ସକ୍ରିୟ ମୌସୁମୀ ଓ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଛି। ଆହୁରି ୩ ଦିନ ବର୍ଷାରେ ଭିଜିବ ସାରା ଓଡିଶା। ଝାଡଖଣ୍ଡ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳ ଉପରେ ରହିଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ ଓ ନୟାଗଡ଼ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ବୌଦ୍ଧ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ପାଇଁ ୧୫ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଅଗଷ୍ଟ ୩ ତାରିଖ ଯାଏଁ ରାଜ୍ୟରେ ବର୍ଷା ଜାରି ରହିବ।

ଆଗାମୀ ୩ ଘଣ୍ଟା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଏସବୁ ଜିଲ୍ଲାଗୁଡିକ ହେଉଛି ସୁନ୍ଦରଗଡ, ମାଲକାନଗିରି, ବରଗଡ ଏବଂ ସମ୍ବଲପୁର। ଏଠିକାର ଜିଲ୍ଲା ପ୍ରଶାସନ ମାନଙ୍କୁ ସତର୍କ ରହିବାକୁ କୁହାଯାଇଛି।  ଅଗଷ୍ଟ ୧ରୁ ୪ ମଧ୍ୟରେ ଛତିଶଗଡ଼ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୪ ତାରିଖ ବେଳକୁ ଉପକୂଳ ଓଡ଼ିଶାରେ ବର୍ଷା ଛାଡ଼ିଯିବ। ତେବେ ପଶ୍ଚିମ ଓଡ଼ିଶାରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ‌ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ପୂର୍ବାନୁମାନ କରିଛନ୍ତି।

Comments are closed.