ଆମ ଓଡିଶା ନବୀନ ଓଡିଶା ଯୋଜନାରେ ସାମିଲ

0

ଓଡ଼ିଆ ନ୍ୟୁଜ, (ବ୍ୟୁରୋ): ଆମ ଓଡିଶା ନବୀନ ଓଡିଶା ଯୋଜନାରେ ସାମିଲ ହେଲା ଯଶିପୁର, କରଞ୍ଜିଆ,ସାରସକଣା, ଓ ରାଇରଙ୍ଗପୁର | ଗ୍ରାମାଞ୍ଚଳର ବିକାଶ କରି ସଶକ୍ତ ଓଡ଼ିଶା ଗଠନ ଦିଗରେ ରାଜ୍ୟ ସରକାର ଆରମ୍ଭ କରିଛନ୍ତି ଗ୍ରାମାଭିମୂଖୀ ମହତ୍ୱକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ । ପ୍ରତି ପଞ୍ଚାୟତ, ପ୍ରତି ଗାଁର ବିକାଶ ରହିଛି ଏହି କାର୍ଯ୍ୟକ୍ରମର ଫୋକସ୍ । କାର୍ଯ୍ୟକ୍ରମର ଦ୍ୱିତୀୟ ପର୍ଯାୟରେ ଆଜି ମୟୁରଭଞ୍ଜ ଜିଲ୍ଲାକୁ ଏହି ଯୋଜନାରେ ସାମିଲ କରାଯାଇଛି ।

ମୟୁରଭଞ୍ଜ ଜିଲ୍ଲାର ଯଶିପୁର, କରଞ୍ଜିଆ,ସାରସକଣା, ରାଇରଙ୍ଗପୁର କୁ ଏହି ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଛି । ଭୁବନେଶ୍ୱରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାର ଶୁଭାରମ୍ଭ କରିଛନ୍ତି | ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି । ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଂସ୍କୃତିର ପ୍ରସାର ଓ ଆଧୁନିକ ଭିତ୍ତିଭୂମିର ଉନ୍ନତି ଆମର ଗାଁଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ। ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମରେ ଗାଁଗୁଡିକ ହେବ ରୂପାନ୍ତରର ପ୍ରକୃତ କେନ୍ଦ୍ର। ଗାଁର ଲୋକମାନେ ହିଁ ନୂଆ ଓଡିଶାର ପରିଚୟ ସୃଷ୍ଟି କରିବେ ବୋଲି ସେ କହିଥିଲେ। ସେ ପୁଣି କହିଲେ ଯେ ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତା’ର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା । ନବୀନ ଓଡିଶାର ପରିଚୟ ନେଇ ରାଜ୍ୟର ପ୍ରତି ଗାଁ ବିକାଶର ମାର୍ଗରେ ଆଗକୁ ବଢିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି । ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ।

ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ। ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ |

Leave A Reply

Your email address will not be published.