ମହାପ୍ରଭୁଙ୍କ “ଗଜବେଶ” ପଛରେ ଥିବା ଇତିହାସ ଜାଣନ୍ତୁ

0

ଓଡ଼ିଆ ନ୍ୟୁଜ (ବ୍ୟୁ୍ରୋ) : ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା। ଏହା ରଥଯାତ୍ରାର ଆଦ୍ୟ ପର୍ବ। ଏହି ଦିନରୁ ହିଁ ଆରମ୍ଭ ହୋଇଥାଏ ଶ୍ରୀଜିଉଙ୍କ ରଥଯାତ୍ରା ପର୍ବ। ସ୍ନାନମଣ୍ଡପରେ ମହାପ୍ରଭୁଙ୍କ ମହାସ୍ନାନ ଦେଖି ଚର୍ମଚକ୍ଷୁକୁ ପବିତ୍ର କରିବା ପାଇଁ ଚାହିଁ ବସିଥାନ୍ତି ଭକ୍ତଗଣ।ତେବେ ଏହି ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ପାଳନ କରାଯାଏ।

ଏହି ଦିନ ଅଭିମନ୍ତ୍ରିତ ହୋଇଥିବା ଜଳରେ ୧୦୮ କଳସରେ ଅଷ୍ଟବନ୍ଧ,କୃଷ୍ଣ-ଅଗୁରୁ, ଉଶୀର, ଗୋରଚନା, ଦେବଦାରୁ, ମୁଥା, ହରିତାଳ, ବାହାଡ଼ା, ଆମଳକୀ, ସଞ୍ଚିଷ୍ଠା, ତାମ୍ରପର୍ଣ୍ଣୀ, ସୋମପର୍ଣ୍ଣୀ ଓ ଲୋଧା ମିଶ୍ରଣ କରାଯାଏ।ଏହି ଜଳରୁ ୩୫ ଗରା ଜଗନ୍ନାଥଙ୍କୁ, ୩୩ ଗରା ବଳଭଦ୍ରଙ୍କୁ, ୨୨ ଗରା ସୁଭଦ୍ରାଙ୍କୁ ଓ ୧୮ ଗରା ସୁଦର୍ଶନଙ୍କୁ ସ୍ନାନ କରାଯାଏ। ଏହାକୁ “ପ୍ରତ୍ୟେକ୍ଷ ଅବକାଶ” କହନ୍ତି। ପ୍ରଭୁଙ୍କୁ ଏହି ଦିନ ଗଜାନନ ବେଶ କରାଯାଏ। ଏହି ଦିନ ରାଘବଦାସ ମଠ ପକ୍ଷରୁ ଦେବୀ ସୁଭଦ୍ରାଙ୍କୁ ଫୁଲଚୂଳ, ଚନ୍ଦ୍ରିକା ଓ ଛତ୍ରି ନାଗି କରାଯାଇ ବେଶ କରାଯାଏ। ଗୋପାଳତୀର୍ଥ ମଠ ଦ୍ୱାରା ପ୍ରଦତ୍ତ ଶ୍ରୀବଳଭଦ୍ରଙ୍କୁ ଗଜାନନ ବେଶ ଓ ଶୁଦର୍ଶନଙ୍କୁ ଚକ୍ର ଲାଗି କରାଯାଏ। ଏହିଦିନ ତିନି ଧୂପ ବଦଳରେ ଗୋଟିଏ ଧୂପ ଦିଆଯାଏ।

ମହାପ୍ରଭୁଙ୍କ ଗଜାନନ ବେଶ: ଦେବସ୍ନାନ ପୂର୍ଣ୍ଣିମା ଦିନ ଚତୁର୍ଦ୍ଧା ମୂର୍ତ୍ତି, ସ୍ନାନ ପରେ ଗଜବେଶରେ ସଜ୍ଜିତ ହୁଅନ୍ତି। କିମ୍ବଦନ୍ତୀ କୁହେ ଯେ ମହାରାଷ୍ଟ୍ରର ଏକ ବ୍ରାହ୍ମଣ ଗଣପତି ଭଟ୍ଟ ଥରେ ଶ୍ରୀକ୍ଷେତ୍ରର ମହିମା ବିଷୟରେ ଶୁଣି, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ଆସିଲେ। ସେ ଭଗବାନ ଗଣେଶଙ୍କର ଭକ୍ତ ଥିଲେ। ତେଣୁ ଦାରୁ ବିଗ୍ରହଙ୍କ ଦର୍ଶନ କରି, ଗଜ ରୂପ ନଦେଖି ସେ ତାଙ୍କୁ ପରମବ୍ରହ୍ମ ବୋଲି ମାନିବାକୁ ଅସ୍ୱୀକାର କଲେ,

ଏବଂକ୍ଷୁବ୍ଧ ହୋଇ ମନ୍ଦିର ତ୍ୟାଗ କଲେ।ପରଦିନ ଦେବସ୍ନାନ ପୂର୍ଣ୍ଣିମା ଥିଲା। ମହାପ୍ରଭୁଙ୍କ ଆଦେଶରେ ବଡ଼ପଣ୍ଡା ଗଣପତି ଭଟ୍ଟଙ୍କୁ ସ୍ନାନ ଯାତ୍ରା ଦେଖିବା ପାଇଁ ଆମନ୍ତ୍ରଣ କଲେ। ତାଙ୍କ ଦୃଷ୍ଟି ସମ୍ମୁଖରେ ଦାରୁ ବିଗ୍ରହ ଶ୍ରୀଜଗନ୍ନାଥଙ୍କ ରୂପ ପରିବର୍ତ୍ତନ ହୋଇ ଗଣପତି ରୂପ ହୋଇଗଲା। ଏ ଅଲୌକିକ ଘଟଣା ଦେଖି ତାଙ୍କର ଜ୍ଞାନୋଦୟ ହେଲା ଏବଂ ସେ ନିଜର ଭୁଲ ବୁଝିପାରିଲେ। ତାଙ୍କ ପ୍ରାର୍ଥନାରେ ସନ୍ତୁଷ୍ଟ ହୋଇ ମହାପ୍ରଭୁ ତାଙ୍କୁ ବର ପ୍ରଦାନ କଲେ ଯେ, ପ୍ରତିବର୍ଷ ଏହି ଦିନରେ ସେ ଗଜବେଶ ଧାରଣ କରିବେ। ଏହି ଘଟଣା ପରଠାରୁ ପ୍ରତିବର୍ଷ ଚତୁର୍ଦ୍ଧା ମୂର୍ତ୍ତି ସ୍ନାନ ପୂର୍ଣ୍ଣିମାରେ ଗଜବେଶ ଧାରଣ କରନ୍ତି।

Leave A Reply

Your email address will not be published.