ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ସମଗ୍ର ବିଶ୍ବରେ ଦେବତାମାନଙ୍କ ନିମନ୍ତେ ଯେତେ ପ୍ରକାରର ରଥ ବ୍ୟବହାରରେ ଆସୁଛି, ତାହା ମଧ୍ୟରେ ଶ୍ରୀକ୍ଷେତ୍ରର ତିନି ରଥ ନିର୍ମାଣ ଶୈଳୀ ଅତୀବ ରହସ୍ୟମୟ । ବହୁ ପ୍ରାଚୀନ ସମୟରୁ ରଥତ୍ରୟର ନିର୍ମାଣ ପଦ୍ଧତି ଶିଳ୍ପଶାସ୍ତ୍ରନୁମୋଦିତ। ରଥ ନିର୍ମାଣ ସମ୍ବନ୍ଧରେ ମାନସାର ସଂଗ୍ରହାଦି ଗ୍ରନ୍ଥମାନଙ୍କରେ ସବିଶେଷ ବିଧି ବିଧାନ ରହିଛି। ଏହି କ୍ରମରେ ୩ ରଥର ଚକକୁ ନେଇ ମଧ୍ୟ ସ୍ବତନ୍ତ୍ର କିମ୍ବଦନ୍ତୀ ରହିଛି। ଶ୍ରୀଜଗନ୍ନାଥଙ୍କ ରଥର ୧୬ ଚକ ଷୋଳକଳାର, ବଳଭଦ୍ରଙ୍କର ୧୪ ଚକ ଚତୁର୍ଦ୍ଦଶ ମନ୍ୱନ୍ତରର ଓ ସୁଭଦ୍ରାଙ୍କ ୧୨ ଚକ ବାରମାସର ଦୃଷ୍ଟି ଆକର୍ଷଣ କରିଥାଏ ।
- ନନ୍ଦିଘୋଷ
ମୋଟ ୭୪୨ଖଣ୍ଡ କାଠରେ ତିଆରି ଏହି ରଥର ଉଚ୍ଚତା ୪୫ଫୁଟ ୬ ଇଞ୍ଚ ଅଟେ । ଏହି ରଥରେ ୧୬ଟି ଚକ (ବିଷ୍ଣୁସିଦ୍ଧ, ବିଭୂତି, ଅଣିମା, ପ୍ରଜ୍ଞା, ଧୀ, ଜ୍ଞାନ, ପ୍ରେମ, ଆଶକ୍ତ, ରତି, କେଳି, ସତ୍ୟ, ସୁଷ୍ୱସ୍ତି, ଜାଗୃତି, ତୁରୀୟ, ଆମ, ନିର୍ବାଣ) ସଂଯୁକ୍ତ ହୋଇଥାଏ । ପ୍ରତ୍ୟେକ ଚକର ଉଚ୍ଚତା ୬ ଫୁଟ । ସାରଥି: ମାତଳୀ । ରଥର ଦଉଡ଼ି: ଶଙ୍ଖଚୂଡ଼ । ପରମ୍ପରା ମୁତାବକ ଧଳାରଙ୍ଗର ଚାରୋଟି ଘୋଡ଼ା (ଶଙ୍ଖ, ବଳାହକ, ଶ୍ୱେତ ଓ ହରିଦ୍ୱାଶ) ସ୍ଥାପନ କରାଯାଏ । ଏହାର ପତାକା ଗରୁଡ଼ ଚିହ୍ନାଙ୍କିତ । ଧ୍ୱଜପମୂର୍ତ୍ତି: ପଞ୍ଚମୁଖୀ ହନୁମାନ । ନାଲି ଓ ହଳଦିଆ ରଙ୍ଗର କପଡ଼ାରେ ରଥାବରଣ କରାଯାଏ । ନନ୍ଦିଘୋଷରେ ହରିହର, ପଣ୍ଡୁ ନୃସିଂହ, ଗିରିଧର, ଷଡ଼ଭୁଜ ଚିନ୍ତାମଣି କୃଷ୍ଣ, ଚତୁର୍ଭୁଜ ନାରାୟଣ, ସପ୍ତଫେଣ ସର୍ପରେ ଆସୀନ ମଧୁସୂଦନ ବା ବିଷ୍ଣୁ, ଲକ୍ଷ୍ମଣ, ପଞ୍ଚମୁଖୀ ମହାବୀର ପାର୍ଶ୍ୱଦେବ/ଦେବୀ ଭାବେ ଅବସ୍ଥାନ କରିଥାନ୍ତି । - ତାଳଧ୍ୱଜ
ମୋଟ ୭୩୧ଖଣ୍ଡ କାଠରେ ତିଆରି ଏହି ରଥର ଉଚ୍ଚତା ୪୫ଫୁଟ ଅଟେ । ଏହି ରଥରେ ୧୪ଟି ଚକ ସଂଯୁକ୍ତ ହୋଇଥାଏ । ପ୍ରତ୍ୟେକ ଚକର ଉଚ୍ଚତା ୬ ଫୁଟ ୬ ଇଞ୍ଚ। ଦଧିନଉତି: ହିରଣ୍ମୟୀ। ସାରଥି: ଦାରୁକ । ରଥର ଦଉଡ଼ି: ବାସୁକୀ । ପରମ୍ପରା ମୁତାବକ କଳା ରଙ୍ଗର ଚାରୋଟି ଘୋଡ଼ା ଘୋଡ଼ା (ଶଙ୍ଖ, ସୁଚିତ୍ର, ଅଙ୍ଗଦ, ମେଘନାଦ) ସ୍ଥାପନ କରାଯାଏ । ଧ୍ୱଜପମୂର୍ତ୍ତି: ଲକ୍ଷ୍ମୀନୃସିଂହ । ନାଲି ଓ ସବୁଜ ରଙ୍ଗର କପଡ଼ାରେ ରଥାବରଣ କରାଯାଏ । ତାଳଧ୍ୱଜ ରଥରେ ମହାଦେବ, ବାଇଶିଭୁଜ ନୃସିଂହ, ବଳରାମ, ନୃତ୍ୟ ଗଣପତି, ଲକ୍ଷ୍ମଣଙ୍କୁ ବହନ କରିଥିବା ଅଙ୍ଗଦ, ନାଟାମ୍ବର (ବୃଷଭ ଉପରେ ନୃତ୍ୟରତ ଶିବ), କାର୍ତ୍ତିକେଶ୍ୱର, ମଧୁକୈଟବଙ୍କ ସହ ବିଷ୍ଣୁଙ୍କ ଯୁଦ୍ଧ, ଅନନ୍ତବାସୁଦେବ ପାର୍ଶ୍ୱବଦେବ/ଦେବୀ ଭାବେ ଅବସ୍ଥାନ କରିଥାନ୍ତି । - ଦର୍ପଦଳନ
ମୋଟ ୭୧୧ଖଣ୍ଡ କାଠରେ ତିଆରି ଏହି ରଥର ଉଚ୍ଚତା ୪୪ଫୁଟ ୬ ଇଞ୍ଚ ଅଟେ । ଏହି ରଥରେ ୧୨ଟି ଚକ ସଂଯୁକ୍ତ ହୋଇଥାଏ । ପ୍ରତ୍ୟେକ ଚକର ଉଚ୍ଚତା ୬ ଫୁଟ ୮ ଇଞ୍ଚ । ସାରଥି: ଅର୍ଜୁନ । ରଥର ଦଉଡ଼ି: ସ୍ୱର୍ଣ୍ଣଚୂଡ଼ । ଧ୍ୱଜପମୂର୍ତ୍ତି: ଜୟଦୁର୍ଗା । ପରମ୍ପରା ମୁତାବକ ନାଲି ଚାରୋଟି ଘୋଡ଼ା (ରୋଚିକା, ମୋଚିକା, ଜିତା, ଅପରାଜିତା) ସ୍ଥାପନ କରାଯାଏ । ନାଲି ଓ କଳା ରଙ୍ଗର କପଡ଼ାରେ ରଥାବରଣ କରାଯାଏ । ଦର୍ପଦଳନରେ ବିମଳା, ମଙ୍ଗଳା, ବାରାହୀ, ଭଦ୍ରକାଳୀ(ଶବରୂଢ଼ା ଚତୁର୍ଭୁଜା), ବନଦୁର୍ଗା ବା କଣ୍ଟକାଢ଼ି, କାତ୍ୟାୟନୀ (ଅଷ୍ଟଭୁଜା ଦୁର୍ଗା), ହରଚଣ୍ଡୀ, ରାମଚଣ୍ଡୀ (ଅଷ୍ଟଭୁଜା ଓ ବାମହାତ କାଣି ଆଙ୍ଗୁଠିକୁ ପାଟିରେ ଚୁଚୁମିଛନ୍ତି), ଅଘୋରା ପାର୍ଶ୍ୱଦେବ/ଦେବୀ ଭାବେ ଅବସ୍ଥାନ କରିଥାନ୍ତି ।