ଓଡ଼ିଆ ନ୍ୟୁଜ, ଭୁବନେଶ୍ୱର : ଆମ ଓଡ଼ିଶା ନବୀନ ଓଡ଼ିଶାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ । ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରଥମ ଦିନରେ କେନ୍ଦୁଝର ଓ ଭଦ୍ରକ ଜିଲ୍ଲାରେ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାର ଶୁଭାରମ୍ଭ କରିଛନ୍ତି । ସାରା ରାଜ୍ୟରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ପାଇଁ ୩୩୯୭ କୋଟି ଟଙ୍କା ଖର୍ଚ୍ଚ ହେବ । ସାମିଲ ହେବେ ରାଜ୍ୟର ୬୭୯୪ଟି ପଞ୍ଚାୟତ । ସାରା ରାଜ୍ୟରେ କାର୍ଯ୍ୟକାରୀ ହେବ ୯୦୭୨୩ଟି ପ୍ରକଳ୍ପ। ପ୍ରତି ଗାଁ ପାଇବେ ୧୦ ଲକ୍ଷ ଟଙ୍କା । ଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି ।
ବିଶ୍ବ ପ୍ରେମ, ଶାନ୍ତି, ସଦ୍ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହି କାର୍ଯ୍ୟକ୍ରମରେ ଗାଁର primary school ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର ପରିଚୟକୁ ଆହୁରି ଉଜ୍ଜଳ କରିବ। ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।
୫ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ପ୍ରତ୍ୟେକ ଜିଲ୍ଲାର ନିର୍ବାଚନ ମଣ୍ଡଳୀର ବିଭିନ୍ନ ଜନପ୍ରତିନିଧି ମାନେ ଯଥା ବିଧାୟକଗଣ, ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇ ଗାଁ ଗାଁ ରେ ବିକାଶର ନୂଆ ପର୍ବର ଶୁଭାରମ୍ଭ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚପ୍ରଶଂସା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ କଲ୍ୟାଣମୂଳକ କାର୍ଯ୍ୟକ୍ରମ ଯୋଗୁ ଗରିବ ଓ ଅବହେଳିତ ଲୋକମାନଙ୍କ ମୁହଁରେ ଆଜି ହସ ଫୁଟିଛି ବୋଲି ସେମାନେ କହିଥିଲେ । ୫ଟି ସଚିବଙ୍କ ଗସ୍ତ ଯୋଗୁ ଜିଲ୍ଲାସ୍ତରରେ ବିକାଶ ତ୍ବରାନ୍ବିତ ହେବା ସହିତ ଅନେକ ଦିନରୁ ପଡି ରହିଥିବା ସମସ୍ୟା ଗୁଡିକ ମଧ୍ୟ ଦୂର ହୋଇଛି ବୋଲି ସେମାନେ କହିଥିଲେ ।