ଲଘୁଚାପ ପ୍ରଭାବରେ ଆଜିଠୁ ବର୍ଷା ସମ୍ଭାବନା

0

ଓଡ଼ିଆ ନ୍ୟୁଜ, (ବ୍ୟୁରୋ) :  ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳେ ଏକ ଲଘୁଚାପ କ୍ଷେତ୍ର ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ତଥା ସଂଲଗ୍ନ ଆଣ୍ଡାମାନ ଓ ନିକୋବରରେ ସୃଷ୍ଟି ହୋଇଛି। ଏହାସହ ଜଡ଼ିତ ଘୂର୍ଣ୍ଣିବଳୟଟି ବାୟୁମଣ୍ଡଳର ମଧ୍ୟଭାଗ ପର୍ଯ୍ୟନ୍ତ ଲମ୍ବିଛି। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତାକାଲି ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏହା ପ୍ରଭାବରେ ଆଜିଠୁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଓଡ଼ିଶାରେ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଗଂଜାମ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଜଗତସିଂହପୁର ଏବଂ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ।

ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଲଘୁଚାପଟି ଧୀରେଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ। ଏହା ଅଧିକରୁ ଅଧିକ ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆସନ୍ତାକାଲି ଏକ ଅବପାତର ରୂପ ନେବ। ପରେ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଆନ୍ଧ୍ରପ୍ରଦେଶ ଉପକୂଳରେ ୧୬ ତାରିଖ ବେଳକୁ ଏକ ଗଭୀର ଅବପାତରେ ପରିଣତ ହେବ। ପରେ ପରେ ଏହା ଦିଗ ବଦଳାଇ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରିବ ଓ ୧୭ ତାରିଖ ବେଳକୁ ଓଡ଼ିଶା ଉପକୂଳସ୍ଥ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିବ। ୧୬ ତାରିଖରେ ରାଜ୍ୟର ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।

ଏହି ୩ ଜିଲ୍ଲା ହେଲା ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ। ୧୭ ତାରିଖରେ ଉତ୍ତର ଓଡ଼ିଶାରେ ବର୍ଷା ହେବ। ଫଳରେ ୧୬ ଓ ୧୭ ତାରିଖ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହୁଛି।   ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।

Leave A Reply

Your email address will not be published.