ଆସୁଛି ରଜ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ପର୍ବ ଭିତରେ ରଜା ହେଉଛି ରଜ। ଏହା ରାଜ୍ୟର ଏକ ପାରମ୍ପରିକ ପର୍ବ ହୋଇଥିବା ବେଳେ ଏହାକୁ ଚାରିଦିନ ଧରି ପାଳନ କରାଯାଇଥାଏ। ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିନ ରଜ ସଂକ୍ରାନ୍ତି, ତୃତୀୟ ଦିନ ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିନ ବସୁମତୀ ସ୍ନାନ ଭାବେ ପାଳନ ହୁଏ। ପୃଥିବୀ ମାତା ବର୍ଷାର ଆଗମନରେ ରଜସ୍ୱଳା ହୁଏ ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରେ।

ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି। ରଜରେ ପୋଡ଼ ପିଠା ଓ ପାନଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ୍‌, ବାଗୁଡ଼ି ଆଦି ଖେଳି ସହିତ ଏହା ପାଳନ କରାଯାଏ।ଆଷାଢ ମାସକୁ ଚତୁର୍ମାସ୍ୟା ବ୍ରତର ପ୍ରଥମ ମାସ ଭାବେ ଧରାଯାଏ। ଏ ଚାରି ମାସ ମୁନି ଋଷି ଓ ସାଧବମାନେ ସେମାନଙ୍କ ପରିଭ୍ରମଣ ତ୍ୟାଗ କରି ଗୋଟିଏ ସ୍ଥାନରେ ରହି ସାଧନା କରିଥାନ୍ତି।

ଏହି ମାସକୁ ଦାମ୍ପତ୍ୟ ଜୀବନର ସର୍ବଶ୍ରେଷ୍ଠ ମାସ ବୋଲି ଗ୍ରହଣ କରାଯାଏ। ଆଷାଢ଼ ମାସରେ ପ୍ରଥମ ବର୍ଷାର ଆଗମନରେ ମେଘ ଓ ମାଟିର ମିଳନ ହୁଏ। ମାଟି ମା’ ରଜସ୍ୱଳା ହୁଏ। କୃଷିପ୍ରଧାନ ଦେଶଭାବେ ଖ୍ୟାତି ଲାଭ କରିଥିବା ଆମଦେଶରେ ମାଟି ମା’ ବହୁ କିସମର ଫସଲ ଫଳାଇ ଆମରି ହାତରେ ଅଜାଡ଼ି ଦିଏ। ମା’ ଯେମିତି ପ୍ରଜନନ ପୂର୍ବରୁ ବିଶ୍ରାମ ଆବଶ୍ୟକ କରେ, ସେମିତି ପ୍ରଜନନକ୍ଷମ ହେବାକୁ ଯାଉଥିବା ମାଟି ମା’କୁ ରଜ ତିନିଦିନ ବିଶ୍ରାମ ଦିଆଯାଏ।

Leave A Reply

Your email address will not be published.