ଓଡ଼ିଆ ନ୍ୟୁଜ (ବ୍ୟୁ୍ରୋ) : ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଦ୍ୟାଳୟ ଗୁଡିକରେ ନିୟୋଜିତ ଥିବା ପାଚିକା-ସହାୟିକାମାନଙ୍କ ପାଇଁ ୧୧୭.୭୩ କୋଟି ଟଙ୍କାର ଆର୍ଥିକ ସହାୟତା ମଞ୍ଜୁର କରିଥିବା ବେଳେ ଶାଢ଼ି ପାଇଁ ଭତ୍ତା ମଧ୍ୟ ପ୍ରଦାନ କରିଛନ୍ତି । ଆର୍ଥିକ ସହାୟତା ଭାବେ ୧୧୭.୭୩ କୋଟି ଟଙ୍କା ମଞ୍ଜୁର କରାଯାଇଛି ଏବଂ ପ୍ରତ୍ୟେକ ପାଚିକା ଓ ସହାୟିକାଙ୍କୁ ଶାଢି ପାଇଁ ୫୦୦ ଟଙ୍କା ଲେଖାଏ ଭତ୍ତା ପ୍ରଦାନ କରାଯାଇଛି।
ରାଜ୍ୟର ଏକ ଲକ୍ଷ ନଅ ହଜାର ପାଚିକାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୫.୪୫ କୋଟି ଟଙ୍କା ପ୍ରଦାନ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଉଦ୍ବୋଧନ ଦେଇ କହିଛନ୍ତି ଯେ, ପିଲାମାନଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ତଥା ପୃଷ୍ଟି ନିରାପତ୍ତା ପାଇଁ ମଧ୍ୟାହ୍ନ ଭୋଜନର ଭୂମିକା ବହୁତ ଗୁରୁତ୍ୱପୂର୍ଣ୍ଣ । ପାଚିକା ଓ ସହାୟିକାମାନେ ଏହି ଗୁରୁ ଦାୟିତ୍ୱ ବହନ କରୁଛନ୍ତି । ୫୦ ହଜାରରୁ ଅଧିକ ସ୍କୁଲରେ ୪୫ ଲକ୍ଷରୁ ଅଧିକ ପିଲା ପଢୁଛନ୍ତି । ଆପଣମାନେ ମା ପରି ଏ ସବୁ ପିଲାମାନଙ୍କର ଖାଇବା ଦାୟିତ୍ୱ ନେଇଛନ୍ତି । ତେଣୁ ସାରା ସମାଜ ଆପଣମାନଙ୍କ ନିକଟରେ ଋଣୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।