ରଥଯାତ୍ରା ପ୍ରସ୍ତୁତି ନେଇ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ପାଖେଇ ଆସୁଛି ମହାପ୍ରଭୁଙ୍କ ଘୋଷଯାତ୍ରା। ଏଥିପାଇଁ ପୁରୀରେ ଚାଲିଛି ପ୍ରସ୍ତୁତି । ଆଜି ରଥଯାତ୍ରା ପ୍ରସ୍ତୁତି ନେଇ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିସହ ରଥ ଯାତ୍ରା ସମୟରେ ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମକୁ ନେଇ ତତ୍ପର ହୋଇ ଉଠିଛି ପ୍ରଶାସନ ଓ ପୁଲିସ୍‌। ପୁରୀ ପୌରସଦନରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସମୀକ୍ଷା ବୈଠକରେ ଯୋଗଦେବେ।

ରଥ ନିର୍ମାଣ ଅଗ୍ରଗତି, ନୀତିକାନ୍ତି, ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ପାନୀୟ ଜଳ ଯୋଗାଣ, ନିରବଚ୍ଛିନ୍ନ ବିଦ୍ୟୁତ୍ ଯୋଗାଣ, ପରିବହନ ବ୍ୟବସ୍ଥା, ସ୍ୱାସ୍ଥ୍ୟ ସେବା, ପରିମଳ ବ୍ୟବସ୍ଥା ଭଳି ସମସ୍ତ ଦିଗକୁ ଗୋଟି ଗୋଟି କରି ଅନୁଧ୍ୟାନ କରିବେ। ମୁଖ୍ୟମନ୍ତ୍ରୀ ସହ ଦୁଇ ଉପମୁଖ୍ୟମନ୍ତ୍ରୀ , ବିଭିନ୍ନ ବିଭାଗର ମନ୍ତ୍ରୀ, ଜିଲ୍ଲାର ସମସ୍ତ ବିଧାୟକ , ମୁଖ୍ୟ ଶାସନ ସଚିବ , ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ , ଜିଲ୍ଲାପାଳ , ଏସ୍‌ପି , ସେବାୟତଙ୍କ ସମେତ ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷ ଏଥିରେ ଯୋଗଦେବାର ସୂଚନା ରହିଛି। ଜୁଲାଇ ୭ ଓ ୮ ଦୁଇ ଦିନ ଧରି ରଥଯାତ୍ରା ଚାଲିବାକୁ ଥିବାରୁ ଉଭୟ ପୁଲିସ ପ୍ରଶାସନ ଓ ନୂଆ ରାଜ୍ୟ ସରକାରଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ ହୋଇଛି।

ଏହି ସମୟରେ ରାଷ୍ଟ୍ରପତିଙ୍କ ପୁରୀ ଗସ୍ତ କାର୍ଯ୍ୟକ୍ରମ ଥିବାରୁ ଏହାକୁ ସୁରୁଖୁରରେ ସମ୍ପାଦନ କରିବାକୁ ଜୋରଦାରରେ ପ୍ରସ୍ତୁତି ଆରମ୍ଭ ହୋଇଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବ । ସେପଟେ ରଥଯାତ୍ରାର ସୁପରିଚାଳନା ନିମନ୍ତେ ୯୦ ଜଣ ଅଫିସରଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି। ତହସିଲଦାର, ବିଡିଓ, ପୌର ନିର୍ବାହୀ ଅଧିକାରୀ ପ୍ରମୁଖ ୯୦ ଜଣ ଏକଜିକ୍ୟୁଟିଭ୍ ମାଜିଷ୍ଟ୍ରେଟଙ୍କୁ ନିୟୋଜିତ କରିଛନ୍ତି ରାଜ୍ୟ ସରକାର ।

Leave A Reply

Your email address will not be published.