ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଇଏମଡି। ଯାହା ଫଳରେ ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ପକ୍ଷରୁ ଶନିବାର ସମସ୍ତ ସ୍କୁଲ ବନ୍ଦ ନେଇ ଘୋଷଣା କରାଯାଇଛି। ତେବେ ସୂଚନା ମୁତାବକ, ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି।
ମୟୂରଭଞ୍ଜ ଜିଲ୍ଲାକୁ ଆଜି ସକାଳ ସାଢ଼େ ୮ଟାରୁ ୧୫ ତାରିଖ ସାଢ଼େ ୮ଟା ପର୍ଯ୍ୟନ୍ତ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ସେହିପରି ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଦକ୍ଷିଣପୂର୍ବ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଯାହା ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଯାଇ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଅବପାତରେ ପରିଣତ ହୋଇପାରେ ।
Comments are closed.