ଗୋଟି ପହଣ୍ଡି ପରେ ଚାଲିଛି ରଥଟଣା, ବଡ଼ ଦାଣ୍ଡରେ ଜନସମୂଦ୍ର

0

ଓଡିଆ ନ୍ୟୁଜ୍(ବ୍ୟୁରୋ): ଆଜି ପବିତ୍ର ବାହୁଡା ଯାତ୍ରା । ମହାବାହୁ ନିଳାଚଳିଆ, ଭଉଣୀ ସୁଭଦ୍ରା, ବଡ଼ ଭାଇ ବଳଭଦ୍ର ବାହୁଡି ଆସିବେ । ଗୁଣ୍ଡିଚା ମନ୍ଦିରରୁ ଆଜି ଶ୍ରୀମନ୍ଦିର ଅଭିମୁଖେ ଧାଇଁ ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦୀରୁ ଶ୍ରୀମନ୍ଦିର ଅଭିମୁଖେ ଯିବେ ଚତୁର୍ଦ୍ଧା ବିଗ୍ରହ । ପହଣ୍ଡିରେ ରଥକୁ ଆସିଛନ୍ତି ତିନି ଠାକୁର । ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ସମ୍ମୁଖରେ ଅପେକ୍ଷାରେ ଅଛନ୍ତି ତିନିରଥ । ବାହୁଡ଼ା ଯାତ୍ରା ପାଇଁ ହୋଇଛି ନୀତିନିର୍ଘଣ୍ଟ । ପହଣ୍ଡିର ଆଭିଧାନିକ ଅର୍ଥ ହେଉଛି ପାଦରେ ଭ୍ରମଣ । ପହଣ୍ଡି ବିଜେ ଶ୍ରୀମନ୍ଦିରର ସ୍ନାନଯାତ୍ରା ଓ ରଥଯାତ୍ରା ସମୟରେ ହୋଇ ଆସୁଥିବା ବିଦ୍ଧି ସମ୍ବନ୍ଧୀୟ କ୍ରିୟାପଦ୍ଧତି । ପହଣ୍ଡି ପୁଣି ଦୁଇ ଭାଗରେ ବିଭକ୍ତ ଯଥା:- ଧାଡି ପହଣ୍ଡି ଓ ଗୋଟି ପହଣ୍ଡି।

ଆଜି ସଅଳ ସଅଳ ପହଣ୍ଡିବିଜେ ଆରମ୍ଭ ହୋଇଥିଲା। ପ୍ରଥମେ ଶ୍ରୀସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ଶ୍ରୀସୁଦର୍ଶନଙ୍କ ପରେ ବଳଭଦ୍ର, ତାପରେ ସୁଭଦ୍ରା ଓ ଶେ‌ଷରେ ଶ୍ରୀଜଗନ୍ନାଥଙ୍କ ପହଣ୍ଡି ବିଜେ ସରିଛି। ଏବେ ଚତୁର୍ଦ୍ଧାମୂର୍ତ୍ତି ରଥାରୂଢ଼ ହେଲେଣି। ପହଣ୍ଡି ସମୟରେ ବଡ଼ଦାଣ୍ଡରେ ଘଣ୍ଟଘଣ୍ଟା ଓ କାହାଳୀ ନାଦରେ ପ୍ରକମ୍ପିତ ହେଉଥିଲା। ଭୋର ୪ଟାରୁ ଠାକୁରଙ୍କ ନୀତିକାନ୍ତି ଆରମ୍ଭ ହୋଇଥିଲା। ଏହାପରେ ପହଣ୍ଡି ଆରମ୍ଭ ହୋଇଥିଲା। ସଅଳ ପହଣ୍ଡି ହେତୁ ଆଜି ରଥଟଣା ବି ନିର୍ଦ୍ଧାରିତ ସମୟ ପୂର୍ବରୁ ଆରମ୍ଭ ହେବାର ସମ୍ଭାବନା ଦେଖା ଦେଇଛି।

ବାହୁଡ଼ା ଯାତ୍ରା ପାଇଁ ନିର୍ଘଣ୍ଟ ନୀତି ଅନୁଯାୟୀ, ଶନିବାର ଭୋର ୪ଟାରେ ମଙ୍ଗଳ ଆଳତି, ୪ଟା ୧୫ରେ ମଇଲମ, ସାଢ଼େ ୪ଟାରେ ତଡ଼ପଲାଗି ଓ ରୋଷହୋମ, ୫ଟାରେ ଅବକାଶ, ୫ଟା ୧୫ରେ ସୂର୍ଯ୍ୟପୂଜା, ସାଢ଼େ ୫ଟାରେ ଦ୍ବାରପାଳ ପୂଜା ଓ ବେଶ ଶେଷ ହେବ। ୫ଟା ୪୫ରୁ ୬ଟା ୪୫ ଭିତରେ ଗୋପାଳବଲ୍ଲଭ ଓ ସକାଳଧୂପ(ଖେଚୁଡ଼ି ଭୋଗ) ନୀତି ସମ୍ପନ୍ନ ହେବ। ସକାଳ ୭ଟାରେ ଦଇତାପତି ସେବକମାନେ ସେନାପଟା ଲାଗି ପାଇଁ ପ୍ରବେଶ କରିବେ। ପୂର୍ବାହ୍ଣ ସାଢ଼େ ୧୧ଟା ସୁଦ୍ଧା ସେନାପଟା ଲାଗି ଶେଷ ପରେ ୧୧ଟା ୪୫ରେ ମଙ୍ଗଳାର୍ପଣ ହୋଇ ବାହୁଡ଼ା ପହଣ୍ଡି ଆରମ୍ଭ ହେବ।  

ମଧ୍ୟାହ୍ନ ୧୨ଟାରୁ ଅପରାହ୍ଣ ସାଢ଼େ ୨ଟା ଭିତରେ ବାହୁଡ଼ା ପହଣ୍ଡି ଶେଷ ପରେ ରଥ ଉପରେ ଅପରାହ୍ଣ ୧ଟାରୁ ସାଢ଼େ ୨ଟା ଭିତରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ବେଶ ଶେଷ ହେବ। ସାଢ଼େ ୨ଟାରୁ ସାଢ଼େ ୩ଟା ଭିତରେ ଛେରାପହଁରା ନୀତି ଅନୁଷ୍ଠିତ ହେବ। ଅପରାହ୍ଣ ୩ଟାରୁ ୪ଟା ଭିତରେ ଚାରମାଳ ଫିଟିବା ଓ ଘୋଡ଼ାଲାଗି କାର୍ଯ୍ୟ ସମ୍ପନ୍ନ ହେବ। ପରେ ଅପରାହ୍ଣ ୪ଟାରେ ରଥଟଣା ଆରମ୍ଭ ହେବ। ସୂଚନାଯୋଗ୍ୟ, ବାହୁଡ଼ା ଯାତ୍ରା ପରେ ଜୁଲାଇ ୧୦ରେ ସୁନାବେଶ ଓ ହରିଶୟନ ନୀତି, ଜୁଲାଇ ୧୧ରେ ଅଧରପଣା ଓ ଗରୁଡ଼ଶୟନ ନୀତି, ଜୁଲାଇ ୧୨ରେ ନୀଳାଦ୍ରୀ ବିଜେ ନୀତି ଅନୁଷ୍ଠିତ ହେବ।

Leave A Reply

Your email address will not be published.