ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ପୌଷ କୃଷ୍ଣ ସପ୍ତମୀ ତିଥୀରେ ଆଜି ଅନୁଷ୍ଠିତ ହେବ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି । ତେଣୁ ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ | ଏଥିଲାଗି ଶ୍ରୀମନ୍ଦିରରେ ଅପରାହ୍ନ ୪ଟାଠାରୁ ରାତ୍ର ୮ଟା ପର୍ଯ୍ୟନ୍ତ ପ୍ରାୟ ୪ ଘଣ୍ଟା ସର୍ବସାଧାରଣଙ୍କ ଲାଗି ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି । ବନକ ଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ । ଏହି ବନକଲାଗି ନୀତି ପାଇଁ ଏକ ସ୍ବତନ୍ତ୍ର ସେବାୟତ ଗୋଷ୍ଠୀ ରହିଥାନ୍ତି ।
ପରମ୍ପରା ଅନୁଯାୟୀ ବୁଧବାର ଅବା ଗୁରୁବାର ଦିନ ମହାପ୍ରଭୁଙ୍କ ବନକ ଲାଗି ହୋଇଥାଏ । ଦ୍ବିପ୍ରହର ଧୂପ ସରିବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ଶ୍ରୀମୁଖ ସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ୪ ଘଣ୍ଟା ସମୟ ଶ୍ରୀମନ୍ଦିରର ସମସ୍ତ ଦ୍ବାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ । ଏହି ବନକଲାଗି ନୀତି ପାଇଁ ଏକ ସ୍ବତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ ।
ତେଣୁ ଆଜି ଶ୍ରୀମନ୍ଦିରରେ ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।ଏହା ଶ୍ରୀଜିଉଙ୍କ ଗୁପ୍ତ ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି । ଏହି ଅବସରରେ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୁର, କଇଥଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରି ଶ୍ରୀମୁଖ୍ୟ ଶୃଙ୍ଖାର କରିବାର ପରମ୍ପରା ରହିଛି ।