ବିରୋଧୀ ଦଳ ଉପନେତା ବିଷ୍ଣୁ ଚରଣ ସେଠୀଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କ ଶୋକ

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ):   ଓଡ଼ିଶା ବିଧାନସଭାର ବିରୋଧୀ ଦଳର ଉପନେତା, ବିଜେପିର ବରିଷ୍ଠ ନେତା ତଥା ଧାମନଗର ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

 ଧର୍ମେନ୍ଦ୍ର ଟ୍ୱିଟ୍ କରିଛନ୍ତି ଯେ ବଡ଼ ଭାଇ ବିଷ୍ଣୁ ଚରଣ ସେଠୀଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ବିଷ୍ଣୁ ଭାଇଙ୍କ ସହ ମୋର ପାରିବାରିକ ସମ୍ପର୍କ ଥିଲା । ଜଣେ ବଡ଼ ଭାଇ ଭାବରେ ସେ ମୋତେ ସ୍ନେହ ଆଦର କରନ୍ତି । ଜଣେ ସ୍ନେହୀ, ଅମାୟିକ ବ୍ୟକ୍ତିତ୍ୱ ଭାବେ ବିଷ୍ଣୁ ଭାଇ ସମସ୍ତଙ୍କ ପ୍ରିୟ ପାତ୍ର ହୋଇ ପାରିଥିଲେ । ବିଧାନସଭାରେ ଶାଣିତ ସ୍ୱରରେ ଜନସାଧାରଣଙ୍କ ସମସ୍ୟା ଉପସ୍ଥାପନ କରିବାରେ ତାଙ୍କର ଶୈଳି ଥିଲା ନିଆରା । ଜଣେ ଲେଖକ ଓ ସୁବକ୍ତା ଭାବେ ସେ ନିଜର ଅନ୍ୟ ଏକ ପରିଚୟ ତିଆରି କରିଥିଲେ । ଦକ୍ଷ ସଂଗଠକ ଭାବରେ ଆମ ଦଳର ସଂଗଠନକୁ ମଜଭୂତ୍ କରିବାରେ ତାଙ୍କର ଭୂମିକା ଅତୁଳନୀୟ । ତାଙ୍କ ବିୟୋଗ କେବଳ ଆମ ଦଳ ପାଇଁ ନୁହେଁ ବରଂ ରାଜ୍ୟ ରାଜନୀତି ପାଇଁ ଅପୂରଣୀୟ କ୍ଷତି ।କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ପୁଣ୍ୟ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜ୍ଞାପନ କରିଛନ୍ତି । ଏହି କଠିନ ସମୟରେ ମହାପ୍ରଭୁ ଜଗନ୍ନାଥ ତାଙ୍କ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ ବୋଲି କେନ୍ଦ୍ରମନ୍ତ୍ରୀ ଟ୍ୱିଟ୍ କରିଛନ୍ତି ।

ଏହା ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ବିଟ କରି କହିଛନ୍ତି ଯେ ଓଡ଼ିଶାର ପ୍ରଗତି ପାଇଁ ଶ୍ରୀ ବିଷ୍ଣୁଚରଣ ସେଠୀଙ୍କ ଅବଦାନ ଅତୁଳନୀୟ । ଜଣେ କଠିନ ପରିଶ୍ରମୀ ବିଧାୟକ ଭାବରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବା ସହ ସାମାଜିକ ସଶକ୍ତିକରଣ ପାଇଁ ତାଙ୍କ ଯୋଗଦାନ ପ୍ରଶଂସାଯୋଗ୍ୟ । ତାଙ୍କ ବିୟୋଗରେ ଦୁଃଖିତ । ତାଙ୍କ ପରିବାର ଏବଂ ସମର୍ଥକ ମାନଙ୍କୁ ସମବେଦନା  ଜଣାଉଛି।

ସେପଟେ ବିଧାନସଭାରେ ବିଜେପି ନେତା ବିଷ୍ଣୁ ସେଠୀ ଙ୍କ ପାର୍ଥିବ ଶରୀର ପହଞ୍ଚିଲା ପରେ ସେଠାରେ ତାଙ୍କୁ ଗାର୍ଡ ଅଫ୍ ଅନର ଦିଆଗଲା। ବିଧାନସଭା ବାଚସ୍ପତି ବିକ୍ରମ କେଶରୀ ଆରୁଖ, ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି ଙ୍କ ସମେତ ଅନ୍ୟାନ୍ୟ ଅଧିକାରୀ ମାନେ ପାର୍ଥିବ ଶରୀରରେ ପୁଷ୍ପମାଲ୍ୟ ଅର୍ପଣ କଲେ। ବିଧାନସଭା ରୁ ପାର୍ଥିବ ଶରୀର ନିଆଗଲା ରାଜ୍ଯ ବିଜେପି କାର୍ୟ୍ଯାଳୟ।

 

ସେଠାରେ ବିଜେପି ପ୍ରଭାରୀ ଡି. ପୁରନ୍ଦେଶ୍ବରୀ ଶ୍ରଦ୍ଧାଞ୍ଜଳି ଜଣେଇଲେ। ବିଜେପି ସଭାପତିଙ୍କ ସମେତ ଅନ୍ୟାନ୍ୟ କର୍ମିମାନେ ମଧ୍ଯ ତାଙ୍କର ପାର୍ଥିବ ଶରୀରରେ ପୁଷ୍ପମାଲ୍ୟ ଦେଲେ। ବିଜେପି କାର୍ୟ୍ଯାଳୟରୁ ତାଙ୍କର ପାର୍ଥିବ ଶରୀର ବିଜେପି ଭଦ୍ରକ କାର୍ଯ୍ୟାଳୟ ତାପରେ ଧାମନଗର ନିର୍ବାଚନ ମଣ୍ଡଳୀ ସେଠୁ ତାଙ୍କ ଗାଁରେ ଯାଇ ଶେଷକୃତ୍ୟ କରାଯିବ।

Leave A Reply

Your email address will not be published.