ଓଡ଼ିଆ ନ୍ୟୁଜ୍: ଆଜି ଠାରୁ ରାଜ୍ୟରେ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହେବ । ଓଡ଼ିଶା ସମେତ ପଶ୍ଚିମବଙ୍ଗ ଓ ତେଲଙ୍ଗାନାର କିଛି ଅଞ୍ଚଳରୁ ମୌସୁମୀ ପ୍ରତ୍ୟାବର୍ତ୍ତନ କରିପାରେ । ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରୁ ପ୍ରତ୍ୟାବର୍ତ୍ତନ କରିବା ନେଇ ପାଗ ଅନୁକୂଳ ରହିଛି । ଏବେ ମୌସୁମୀ ବାୟୁର ପ୍ରତ୍ୟାହାର ରେଖା ବାରଣାସୀ, ଜବଲପୁର, ଆକୋଲା, ଅହଲ୍ୟାନଗର, ଆଲିବାଗ ଦେଇ ଗତି କରୁଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ସମେତ ପଶ୍ଚିମବଙ୍ଗ, ସିକିମ୍, ତେଲେଙ୍ଗାନାର କିଛି ଅଞ୍ଚଳ, ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ଉତ୍ତର ପ୍ରଦେଶ ଓ ବିହାରର ଅବଶିଷ୍ଟ ଅଂଶ, ଝାଡ଼ଖଣ୍ଡ ଓ ଛତିଶଗଡ଼ରୁ ସମ୍ପୂର୍ଣ୍ଣ ଭାବେ ପ୍ରତ୍ୟାବର୍ତ୍ତନ କରିବ ।ପରବର୍ତ୍ତୀ ୨ରୁ ୩ ଦିନ ମଧ୍ୟରେ ଉତ୍ତର-ପୂର୍ବ ଭାରତରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୂଳ ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୬ରୁ ୭ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରାରେ ବଡ଼ ପରିବର୍ତନ ହେବ ନାହିଁ ।