ରାକ୍ଷୀ ପୂର୍ଣ୍ଣିମାକୁ କେଉଁଠି କିପରି ପାଳନ କରାଯାଏ?

0

ଓଡିଆ ନ୍ୟୁଜ୍ (ବ୍ୟୁରୋ) : ଭାରତୀୟ ସଂସ୍କୃତିରେ ପ୍ରତିଟି ପର୍ବପର୍ବାଣୀ ପାଳନ ପଛରେ ରହିଛି ଅନେକ ବିଶେଷତ୍ୱ । ରକ୍ଷା ବନ୍ଧନକୁ ଏକ ପବିତ୍ର ତଥା ଶ୍ରଦ୍ଧାର ପର୍ବ ବୋଲି ବିବେଚନା କରାଯାଏ । ଏହାକୁ ଶ୍ରାବଣ ମାସ ଶୁକ୍ଳ ପକ୍ଷ ପୂର୍ଣ୍ଣିମା ତିଥିରେ ପାଳନ କରାଯାଏ । ଓଡିଆ ମାନେ ଏହାକୁ ପ୍ରଭୁ ବଳଭଦ୍ରଙ୍କର ଜନ୍ମ ତିଥି ଭାବରେ ମଧ୍ୟ ପୂଜା କରନ୍ତି ।

ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ । ତେବେ ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିତ ହେଇଆସୁଛି । ଗୁଜରାଟ, ମହାରାଷ୍ଟ୍ର, ଗୋଆ, କର୍ଣ୍ଣାଟକ ଆଦି ସ୍ଥାନରେ ଶ୍ରାବଣ ପୂର୍ଣ୍ଣିମା ନାରିକେଳ ପୂର୍ଣ୍ଣିମା ଭାବେ ପାଳିତ ହେଇଥାଏ । ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଏ । ଉପକୂଳବର୍ତ୍ତୀ ଅଞ୍ଚଳ, ବିଶେଷ କରି ଯେଉଁମାନେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ସମୁଦ୍ର ଉପରେ ନିର୍ଭର କରିଥାନ୍ତି ସେମାଙ୍କ ପାଇଁ ଏହି ପର୍ବ ଯଥେଷ୍ଟ ମହତ୍ତ୍ୱ ରଖେ । ଗୁଜରାଟରେ ଏହି ଦିନ ପବିତ୍ରୋପନ ମଧ୍ୟ ପାଳିତ ହୋଇଥାଏ । ଶ୍ରାବଣର ପ୍ରତି ସୋମବାର ଶିବ ମନ୍ଦିରରେ ଜଳଲାଗି ସହ ପୂର୍ଣ୍ଣମୀରେ ଏହି ପର୍ବ ବହୁତ ଆଡ଼ମ୍ବର ସହିତ ପାଳିତ ହେଇଥାଏ । ଉତ୍ତର ଭାରତରେ ଏହି ପର୍ବ କାଜରି ପୂର୍ଣ୍ଣିମା ଭାବେ ଜଣାଶୁଣା । ଭଲ ଫସଲ ଉତ୍ପାଦନ ପାଇଁ ଏହି ଦିନ ଦେବୀଙ୍କୁ ପୂଜା କରାଯାଇଥାଏ । ତେବେ ଏହା ସବୁ ସ୍ଥାନରେ ନୁହେଁ, ସ୍ଥାନୀୟ ଭାବେ ପାଳିତ ହୋଇଥାଏ । ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ ଓ ଛତିଶଗଡ଼ର କେତେକ ସ୍ଥାନରେ ଏହା ପାଳିତ ହେଇଥାଏ ।

ତେବେ ଦକ୍ଷିଣ ଭାରତରେ ଏହି ତିଥିକୁ ଅବନୀ ଅୱିଟ୍ଟମ୍ ପାଳନ କରାଯାଇଥାଏ । ଏହାକୁ ଓଡ଼ିଶାର ବ୍ରାହ୍ମଣଶାସନରେ ଶ୍ରାବଣୀ ବେଦଉପାକର୍ମ ମଧ୍ୟ କୁହାଯାଏ । ବ୍ରାହ୍ମଣମାନେ ଏହିଦିନ ପବିତ୍ର ବୁଡ଼ ପକାଇ ଶ୍ଲୋକ ଉଚ୍ଚାରଣ ସହ ଯଜ୍ଞୋପବୀତ ଧାରଣ କରିଥାନ୍ତି । ବ୍ରାହ୍ମଣଙ୍କଦ୍ୱାରା କରାଯାଉଥିବା ଉତ୍ସବକୁ ବ୍ରହ୍ମଯଜ୍ଞ ମଧ୍ୟ କୁହାଯାଏ ।

Leave A Reply

Your email address will not be published.