ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ସାରା ଭାରତରେ ଥରେ ଦୁର୍ଗାପୂଜା ହେବାର ଆପଣମାନେ ଶୁଣିଥିବେ ନିଶ୍ଚୟ । କିନ୍ତୁ ଭାରତରେ ବର୍ଷକୁ ୨ଥର ମା’ ଦୁର୍ଗାଙ୍କର ପୂଜା ହେଉଥିବାର ଶୁଣିଛନ୍ତି କି? ହଁ ଆଜ୍ଞା । ଭାରତୀୟ ପରମ୍ପରା, ନୀତି ଅନୁସାରେ ଭାରତରେ ପ୍ରତିବର୍ଷ ଦୁଇଥର ଦେବୀ ଦୁର୍ଗାଙ୍କର ପୂଜା ଅନୁଷ୍ଠିତ ହୁଏ । ଶରତ ଋତୁରେ ଆଶ୍ୱିନ ମାସ ଶୁକ୍ଳ ପକ୍ଷର ପୂଜାକୁ ‘ଦେବୀ ପୂଜା’ ଏବଂ ବସନ୍ତ ଋତୁରେ ଚୈତ୍ରମାସ ଶୁକ୍ଳ ପକ୍ଷର ପୂଜାକୁ ‘ବାସନ୍ତୀ ପୂଜା’ କୁହାଯାଏ । ଯେଉଁ ମା’ର ଶସ୍ୟ ଆହାର କରି ମାନବ ଜୀବିକା ନିର୍ବାହ କରେ, ସେହି ଧରିତ୍ରୀ ରାଣୀର ବୟଃପ୍ରାପ୍ତିରେ ଉତ୍ଫୁଲ୍ଲ ହୋଇ ଜନ-ମାନସ ବାସନ୍ତୀ ଦୁର୍ଗାଙ୍କ ପୂଜାର ଆୟୋଜନ କରେ, ମାତ୍ର ଏକ ସାର୍ବଜନୀନ ପୂଜା ରୂପେ ଶାରଦୀୟ ଦେବୀପୂଜା ହିଁ ଅଧିକ ଲୋକପ୍ରିୟତା ଅର୍ଜନ କରିଅଛି । ଏହି ଶାରଦୀୟ ପର୍ବ ଭାରତର ପୁରପଲ୍ଲୀରେ ଦଶହରା ପର୍ବରୂପେ ପାଳନ କରାଯାଏ । ଏହି ପର୍ବର ମୂଳ ଲକ୍ଷ୍ୟ ହେଉଛି ଦେବୀ ଉପାସନା ଓ ଆରାଧନା ।
ଦୁର୍ଗାପୂଜା ପରି ଦଶହରା ପର୍ବ ମଧ୍ୟ ବର୍ଷକରେ ଦୁଇଥର ପାଳନ କରାଯାଏ । ଜ୍ୟେଷ୍ଠମାସ ଶୁକ୍ଳଦଶମୀ ହେଉଛି ଗଙ୍ଗାମାତାଙ୍କର ଜନ୍ମଦିବସ ଓ ଏହିଦିନ ଗଙ୍ଗାପୂଜା କରି ଗଙ୍ଗାନଦୀରେ ସ୍ନାନ କଲେ ତ୍ରିବିଧ ପାପ ଖଣ୍ଡନ ହୁଏ ବୋଲି ଏହି ତିଥିକୁ ‘ଦଶହରା’ ବା ‘ଦଶବିଧ’ ପାପହରଣ ଦିବସ କୁହାଯାଏ । ଏହି ତିଥିଟି ଲୋକମୁଖରେ ‘ଗଙ୍ଗା ଦଶହରା’ ନାମରେ ପରିଚିତ ଓ ଅନ୍ୟ ଦଶହରା ପର୍ବଟି ଆଶ୍ୱିନ ମାସ ଶୁକ୍ଳପକ୍ଷ ଦଶମୀ ତିଥିରେ ପାଳିତ ହୁଏ ଓ ଏହି ଦୁର୍ଗାପୂଜାର ଶେଷ ଦିବସ । ଏହି ଦଶହରା ପର୍ବ ଭାରତରେ ସର୍ବଜନବିଦିତ ପର୍ବ । ତେଣୁ ‘ଦଶହରା’ କହିଲେ ସମସ୍ତେ ଆଶ୍ୱିନ ଶୁକ୍ଳ ଦଶମୀକୁ ହିଁ ବୁଝନ୍ତି।
ଏହି ଦଶହରା ଦିବସରେ ରାମଚନ୍ଦ୍ର ମାତୃଶକ୍ତି ବନଦୁର୍ଗାଙ୍କୁ ସ୍ତୁତି କରି ରାବଣର ନିଧନ ଉଦ୍ଦେଶ୍ୟରେ ଲଙ୍କା ଅଭିମୁଖେ ବିଜୟଯାତ୍ରା ଆରମ୍ଭ କରିଥିବାରୁ ଏହି ତିଥିକୁ ‘ବିଜୟା ଦଶମୀ’ କୁହାଯାଏ । ପୁଣି ଏହି ଦିବସର ଅବ୍ୟବହିତ ପୂର୍ବରୁ ସିଂହବାହିନୀ ଆଦ୍ୟା ଶକ୍ତି ଦୁର୍ଗା ମହିଷାସୁରକୁ ବଧ କରି ଦେବତାମାନଙ୍କର ମଙ୍ଗଳ ବିଧାନ କରିଥିଲେ । ଦେବୀଙ୍କ ସହ ଦାନବମାନଙ୍କର ଯୁଦ୍ଧ କନ୍ୟାମାସ ବା ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀଠାରୁ ଶୁକ୍ଳପକ୍ଷ ନବମୀ ପର୍ୟ୍ୟନ୍ତ ଷୋଳଦିନ ଧରି ଚାଲିଥିଲା । ଶୁକ୍ଳ ଅଷ୍ଟମୀ ଓ ନବମୀ ତିଥିରେ ମହାମାରୁ ହୋଇଥିଲା । ମହିଷାସୁର ସମେତ ସମସ୍ତ ଅସୁର ବଂଶ ନିପାତ ହେଲେ । ମହାମାରୁ ନବମୀ ରାତିର ଅନ୍ଧକାର ସହ ତ୍ରୈଲୋକ୍ୟରୁ ଅମଙ୍ଗଳର ଛାୟା ଅପସରି ଗଲା, ଶୁକ୍ଳ ଦଶମୀରେ ସବୁପ୍ରକାର ଶୁଭକାର୍ୟ୍ୟର ଆରମ୍ଭ ହେଲା । ଏହିଦିନ ଜଗତର ଦୁଃଖ ହରଣ ହୋଇଥିବାରୁ ଏହା ‘ଦୁଃଖହା ଦଶମୀ’ ନାମରେ ଖ୍ୟାତି ଲାଭ କରିଅଛି ବୋଲି ଆଦିକବି ଶୂଦ୍ରମୁନି ସାରଳା ଦାସ ‘ଚଣ୍ଡୀପୁରାଣ’ରେ ଲେଖିଛନ୍ତି । ‘ଦୁଃଖହା ଦଶମୀ’ ଦିନ ମହାଦଶାରୁ ଉଦ୍ଧାର ପାଇ ଦେବତାମାନେ ମହାଶକ୍ତି ବ୍ରହ୍ମମୟୀ ଦୁର୍ଗତିନାଶିନୀ ଦୁର୍ଗାଙ୍କୁ ସ୍ତୁତି କରିଥିବାରୁ ଏହି ତିଥିରେ ଦୁର୍ଗାଙ୍କର ଆରାଧନା କରାଯାଏ । ଏପରି ଭାବେ ମା’ଙ୍କ ଦୁର୍ଗାପୂଜାର ଅନେକ ମାହାତ୍ମ୍ୟ ରହିଛି ।
ଦେବୀ ମାହାତ୍ମ୍ୟ’ ମତେ: ‘ଚଣ୍ଡୀ’ ଶୁଣି ରାଜ୍ୟଭ୍ରଷ୍ଟ ରାଜା ସୁରଥଙ୍କର ମୋହ ତୁଟିଯିବା ପରେ ସେ ଦୁର୍ଗାପୂଜାର ପରମ୍ପରା ସୃଷ୍ଟି କରିଥିଲେ । ଦେବୀପୀଠଗୁଡ଼ିକରେ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀଠାରୁ ଶୁକ୍ଳପକ୍ଷ ନବମୀ ପର୍ୟ୍ୟନ୍ତ ଷୋଳଦିନ ବ୍ୟାପୀ ପୂଜା ଅନୁଷ୍ଠିତ ହୁଏ । ଏହାକୁ ଷୋଳପୂଜା କୁହାଯାଏ । ଶୁକ୍ଳପକ୍ଷ ସପ୍ତମୀ ଦିନ ମୃଣ୍ମୟୀ ପ୍ରତିମା ଓ ଘଟ ସ୍ଥାପିତ ହୁଏ । ଅଷ୍ଟମୀଦିନ ମହାଷ୍ଟମୀ ପୂଜା ଓ ବଳିଦାନ କରାଯାଏ । ‘ବଳି’ ଶବ୍ଦର ଅର୍ଥ ହେଉଛି ଉପହାର । ଜଗତଜନନୀଙ୍କୁ ସନ୍ତୁଷ୍ଟ କରିବା ପାଇଁ କିଛି ଉପହାର ଦେବାକୁ ପଡେ । ତେଣୁ ଦେବୀପୂଜାରେ ବଳିଦାନର ବ୍ୟବସ୍ଥା ରହିଛି ଓ ନବମୀ ଦିନ ରକ୍ତମୁଖା ଦେବୀଙ୍କୁ ଶାନ୍ତ କରିବା ପାଇଁ ଶାନ୍ତି ବୋଦା ପଡେ ।
ଦଶମୀ ଦିନ ମହା ସମାରୋହରେ ମୃଣ୍ମୟୀ ଦେବୀ ପ୍ରତିମା ଓ ଘଟ ବିସର୍ଜନ କରାଯାଏ ଓ ପୁରୀଠାରେ ଦଶହରା ପରଦିନ ଦୁର୍ଗାଙ୍କର କ୍ରୋଧାନ୍ୱିତା ଶକ୍ତି ‘ଗୋସାଣୀ ଯାତ’ ଏବଂ ଏହି ତିଥିକୁ ଗୋସାଣୀ ଏକାଦଶୀ କୁହାଯାଏ ଓ ଶାରଦୀୟ ଦୁର୍ଗାପୂଜାରେ ମହାସ୍ନାନ ବଳି ଏବଂ ହୋମର ବ୍ୟବସ୍ଥା ଥିବାରୁ ଏହାକୁ ‘ମହାପୂଜା’ ମଧ୍ୟ କୁହାଯାଏ । ବିବିଧ କାରଣରୁ ଦଶହରା ପର୍ବ ପାଳନ କରାଯାଉଥିବାରୁ ଏହା ଏକ ମହାନ ପାର୍ବଣରେ ପରିଣତ ହୋଇଛି । ଏହି ପର୍ବର ମହତ୍ତ୍ୱ ବିଷୟରେ ଦେବୀ ପୁରାଣରେ କୁହାଯାଇଛି ଯେ ଏହା ଏକ ମହାନ, ପବିତ୍ର ବ୍ରତ ଏବଂ ଏହି ବ୍ରତ ପାଳନ କଲେ ସିଦ୍ଧି ଲାଭ ହୁଏ ଓ ଶତ୍ରୁମାନେ ପରାଜିତ ହୁଅନ୍ତି ଓ କୁରୁକ୍ଷେତ୍ର ଯୁଦ୍ଧ ଆରମ୍ଭର ପୂର୍ବରୁ ଶ୍ରୀକୃଷ୍ଣ ପାଣ୍ଡବମାନଙ୍କୁ ବନଦୁର୍ଗାଙ୍କର ଆରାଧନା କରିବା ପାଇଁ ଉପଦେଶ ଦେଇଥିଲେ ।