ପଣା ସଂକ୍ରାନ୍ତିକୁ କହିଁକି କୁହାଯାଏ ଜଳ ସଂକ୍ରାନ୍ତି?

0

ଓଡ଼ିଆ ନ୍ୟୁଜ (ବ୍ୟୁ୍ରୋ) : ପଣାସଂକ୍ରାନ୍ତି ବା ଓଡିଆ ନୂଆ ବର୍ଷ ଅନେକ ଗୁରୁତ୍ୱ ବହନ କରେ । ଏହି ଦିନ ଏକ ଛୋଟ ମାଠିଆରେ ପଣା ରଖି ତୁଳସୀ ଚଉରା ମୂଳରେ ବାନ୍ଧିଦିଆଯାଏ । ମାଠିଆରେ ଥିବା ଛୋଟ କଣାରୁ ଧିରେ ଧିରେ ପାଣି ଝରେ ଯାହା ବର୍ଷାକୁ ସୂଚାଇଥାଏ ଏହି ଠେକିକୁ ବସୁନ୍ଧରା ଠେକି କହାଯାଏ । ଛତୁଆ, ଦହି, ଗୁଡ଼, କଦଳୀ ଓ ନଡିଆକୁ ମିଶାଇ ତୁଳସୀ ଚଉରା ପାଖରେ ଭୋଗ ଲଗାଯାଏ । ବେଲ ପଣାରେ ବଟା ଭାଙ୍ଗ ମିଶାଇ ଭାଙ୍ଗ ପଣା ସେବନ ମଧ୍ୟ କରାଯାଇଥାଏ।
ଏହା ସହିତ ବୃକ୍ଷମୂଳରେ ଜଳଦାନର ପ୍ରଥା ଆମ ସମାଜରେ ପ୍ରଚଳିତ । ସେଥିପାଇଁ ହିନ୍ଦୁ ପରିବାରରେ ଚଉରାରେ ପୂଜା ପାଉଥିବା ତୁଳସୀ ବୃକ୍ଷ ଉପରେ ଛାମୁଡ଼ିଆ କରି ଘଡ଼ିରେ ଜଳ ରଖି ତାର ନିମ୍ନ ଅଂଶରେ ସରୁ କଣାକରି ସୂକ୍ଷ୍ମ ଧାରରେ ଜଳଦାନ କରାଯାଇଥାଏ ।

ଏହି ସଂକ୍ରାନ୍ତି ପରଠାରୁ ବୃକ୍ଷଜଗତ ଏବଂ ଜୀବଜଗତକୁ ଜଳ ପ୍ରଦାନ କରାଯାଉଥିବାରୁ ଏହି ସଂକ୍ରାନ୍ତିର ଅନ୍ୟ ନାମ ଜଳସଂକ୍ରାନ୍ତି ବୋଲି କହିଥାନ୍ତି । ଏହି ସଂକ୍ରାନ୍ତି ପରଠାରୁ ବାୟୁର ଗତି ମଧ୍ୟ ପ୍ରଖର ହୁଏ । ଉଭୟ ଅଗ୍ନି ଓ ବାୟୁଙ୍କ ପ୍ରକୋପରୁ ରକ୍ଷାପାଇବା ପାଇଁ ଏହି ସମୟରେ ହନୁମାନ ଜୟନ୍ତି ପାଳନ କରାଯାଏ । ଏହିଦିନ ପବିତ୍ର ଝାମୁ ବ୍ରତର ଉଦ୍‌ଯାପନ କରାଯାଏ । ଯେଉଁମାନେ ଏହି ବ୍ରତ ପାଳନ କରନ୍ତି ତାଙ୍କୁ ପାଟୁଆ ବୋଲି କୁହାଯାଏ । ବ୍ରତ ଉଦ୍‌ଯାପନ ଦିନ ବ୍ରତଧାରୀ କଣ୍ଟା ବା ଜଳନ୍ତା ଅଗ୍ନିରେ ଚାଲନ୍ତି । ଓଡ଼ିଶାର ଅନେକ ଅଂଚଳରେ ଏହି ବ୍ରତ ଉପଲକ୍ଷେ ଯାତ୍ରା ହୁଏ ଏହାକୁ ଝାମୁ ବା ପାଟୁଆ ଯାତ୍ରା କହନ୍ତି । ବ୍ରତଧାରୀମାନେ ସମାଜକୁ କଠୋର ତାପ ସହ୍ୟ କରିବାର ଶକ୍ତି ସମ୍ପର୍କରେ ଶିକ୍ଷା ପ୍ରଦାନ କରିଥାନ୍ତି ।

Leave A Reply

Your email address will not be published.